ସମ୍ବଲପୁରରେ ଶାନ୍ତି ଫେରୁଥିବା ବେଳେ ବିଜେପି ପୁଣିଥରେ ଅରାଜକତା ସୃଷ୍ଟି ପାଇଁ ଉଦ୍ୟମ କରୁଛି: ବିଜେଡି | News Room Odisha

ସମ୍ବଲପୁରରେ ଶାନ୍ତି ଫେରୁଥିବା ବେଳେ ବିଜେପି ପୁଣିଥରେ ଅରାଜକତା ସୃଷ୍ଟି ପାଇଁ ଉଦ୍ୟମ କରୁଛି: ବିଜେଡି

ଭୁବନେଶ୍ୱର: ଓଡ଼ିଶାବାସୀଙ୍କୁ ଅରାଜକ କହି ବାରମ୍ବାର ଅପମାନିତ କରୁଥିବା ବିଜେପି ଏବେ ପୁଣିଥରେ ସମ୍ବଲପୁରରେ ହିଂସା ଓ ଅରାଜକତା ସୃଷ୍ଟି କରିବାକୁ ଉଦ୍ୟମ କରୁଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରାଯାଇଛି ।

ଆଜି ବିଜେଡି ମୁଖପାତ୍ର ସଞ୍ଜୟ ବାବୁ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଯେତେବେଳେ ସମ୍ବଲପୁରରେ ଏକ ସ୍ପର୍ଶକାତର ଘଟଣା ଘଟିଛି ଏବଂ ଧୀରେ ଧୀରେ ଶାନ୍ତି ଫେରିଆସୁଛି, ସେତିକିବେଳେ ବିଜେପି ନେତାମାନେ ସମ୍ବଲପୁରରେ ପଶି ଶାନ୍ତି ଭଙ୍ଗ କରିବାକୁ ଚେଷ୍ଟା କରୁଛନ୍ତି ।

ବିଜେପି ଶାସିତ ଉତ୍ତରପ୍ରଦେଶ ଏବଂ ଅନ୍ୟାନ୍ୟ ରାଜ୍ୟରେ ଏଭଳି ସ୍ପର୍ଶକାତର ଘଟଣା ଘଟିଲେ, ସରକାର କୌଣସି ରାଜନୈତିକ ଦଳର ପ୍ରତିନିଧି ଦଳକୁ ସେଠାକୁ ଯିବାକୁ ଅନୁମତି ଦିଅନ୍ତି ନାହିଁ । ଯେତେବେଳେ ଉତ୍ତରପ୍ରଦେଶର ହାଥରସ୍, ଲଖିମପୁର ଖେରିରେ ସ୍ପର୍ଶକାତର ଘଟଣା ଘଟିଥିଲା, ବିଜେପି ସରକାର ସେଠାକୁ କୌଣସି ଦଳର ଲୋକଙ୍କୁ ଛାଡ଼ି ନଥିଲା । ନିଜ ଶାସିତ ରାଜ୍ୟରେ ବିଜେପି ଗୋଟିଏ ନୀତି ଆପଣାଉଥିବାବେଳେ ଓଡ଼ିଶାର ବିଜେପି ନେତାମାନେ ଏଠି ନିଜ ପାଇଁ ଭିନ୍ନ ନୀତି ଆପଣାଇଛନ୍ତି । ଏଥିର ଜଣାପଡ଼ୁଛି ଯେ କେବଳ ରାଜନୈତିକ ଫାଇଦା ଉଦ୍ଦେଶ୍ୟରେ ସମ୍ବଲପୁର ଯାଇ ପୁନର୍ବାର ହିଂସାକୁ ଉସୁକାଇବାକୁ ଚେଷ୍ଟା କରୁଛନ୍ତି ।

ଶ୍ରୀ ବାବୁ ଆହୁରି କହିଛନ୍ତି ଯେ ଶାନ୍ତିପ୍ରିୟ ଓଡ଼ିଶାବାସୀ ବିଜେପି ନେତାଙ୍କ ଏଭଳି ହୀନ ଉଦ୍ୟମକୁ ଦେଖୁଛନ୍ତି ଏବଂ ସେମାନଙ୍କ ଅସଲ ଉଦ୍ଦେଶ୍ୟ ମଧ୍ୟ ବୁଝିଛନ୍ତି । ତେଣୁ ଆଗାମୀ ଦିନରେ ଓଡ଼ିଶାବାସୀ ବିଜେପିକୁ ଠିକଣା ଜବାବ ଦେବେ ।