ଅଗଷ୍ଟ ମାସରେ ପ୍ରଥମ ଲଘୁଚାପ: କାଲିଠୁ ୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର – ଚଳିତ ମାସ ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ରହିଛି। ଏଥିସହ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ରହିଥିବା ଏକ ଘୂର୍ଣ୍ଣିବଳୟ ଏବେ ଉତ୍ତର-ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୪.୫କିମି ଉଚ୍ଚତାରେ ଦକ୍ଷିଣପଶ୍ଚିମ ଆଡ଼କୁ ଢଳି ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ । ଏହା ଦ୍ୱାରା ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ‌ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ଅଗଷ୍ଟ ୭ରୁ ୯ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

ଅଗଷ୍ଟ ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆଜି ରାଜ୍ୟର ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବରଗଡ଼, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ‌ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ଆସନ୍ତାକାଲି ଲଘୁଚାପ ପ୍ରଭାବରେ ବର୍ଷା ଆରମ୍ଭ ହୋଇଯିବ।

Comments are closed.