ଆସନ୍ତା ୧୭ ରୁ ୧୮ ତାରିଖ ମଧ୍ୟରେ ଆଉ ଏକ ଲଘୁଚାପ !

ଭୁବନେଶ୍ୱର – ଏହିମାସ ୧୭ରୁ୧୮ ତାରିଖ ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଏଣେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆଜି ସକାଳେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତୁହାକୁ ତୁହା ବର୍ଷା ଲାଗିରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହୋଇପାରେ । ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଥିବା ଆଇଏମ୍‍ଡି ଡିଜି କହିଛନ୍ତି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼଼ା, ବଲାଙ୍ଗିର, କୋରାପୁଟ, ବୌଦ୍ଧ ଓ ନୟାଗଡ଼଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡିକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ନୂଆପଡ଼ା, ସୋନପୁର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ବାଳେଶ୍ୱର, ମୟୁରଭଂଜ, ପୁରୀ, କେନ୍ଦୁଝର, ମାଲକାନଗିରି, ବରଗଡ଼଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.