ଆଜି ପବିତ୍ର ମହାଶିବରାତ୍ରି, ଧାର୍ମିକ ଚେତନାରେ ଏହି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ
ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ମହା ଶିବରାତ୍ରି । ଏହିଦିନ ଭଗବାନ ଶିବଙ୍କ ପୂଜା କରାଯାଏ । ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ [...]
ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ମହା ଶିବରାତ୍ରି । ଏହିଦିନ ଭଗବାନ ଶିବଙ୍କ ପୂଜା କରାଯାଏ । ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର ‘ମାଘସ୍ନାନ’ ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନମାସ କୃଷ୍ଣଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବ ରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ । ଭାରତର ବିଭିନ୍ନ ସ୍ଥାନରେ ଥିବା ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ କ୍ଷେତ୍ରରେ ଏହିପର୍ବ ବେଶ ଭକ୍ତି ଓ ଉଲ୍ଲାସର ସହ ପାଳିତ ହୋଇଥାଏ ।
ମହା ଶିବରାତ୍ରିର ପୌରାଣିକ ଭିତ୍ତିଭୂମି:- ଦେବଦେବ ମହାଦେବଙ୍କଦ୍ୱାରା ଏଇ ଦିନ ସଂସାର ପ୍ରକଟ ହୋଇଥିଲା ବୋଲି ଲୋକେ ବିଶ୍ୱାସ କରିଥାନ୍ତି । ପୁରାଣର ଅନ୍ୟଏକ ଆଖ୍ୟାନ ଅନୁସାରେ, ଦେବ ଓ ଅସୁରମାନଙ୍କଦ୍ୱାରା ସମୁଦ୍ର ମନ୍ଥନ ସମୟରେ ସେଥିରୁ ବାହାରିଥିବା ସମସ୍ତ ବିଷକୁ ଶିବ ପାନକରି ଧରାକୁ ଏକ ଆସନ୍ନ ବିପଦରୁ ଉଦ୍ଧାର କରିଥିଲେ । ଏହି ବିଷକୁ ପାନ କରିବା ପରେ ବିଷର ଜ୍ୱାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ।ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ । ସେହିଦିନ କୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରି ପାଳନ କରିଥାନ୍ତି । ଫାଲଗୁନ କୃଷ୍ଣ ଚତୁର୍ଦ୍ଦଶୀ ଦିନ ଶିବଲିଙ୍ଗ ଭାବରେ ଆବିର୍ଭୂତ ହୋଇଥିବାରୁ ପ୍ରତିବର୍ଷ ଏହି ଦିନକୁ ମହାଶିବରାତ୍ରି ଭାବରେ ପାଳନ କରାଯାଏ ।
ଶିବରାତ୍ରର ମହିମା ସମ୍ପର୍କରେ ମହାଭାରତର ଶାନ୍ତିପର୍ବରେ କଥିତ ଅଛି ଯେ ପିତାମହ ଭୀଷ୍ମ ଶରଶଯ୍ୟାରେ ଥାଇ ଧର୍ମୋପଦେଶ ଦେଲାବେଳେ ମହାଶିବରାତ୍ରି ପାଳନ ସମ୍ପର୍କରେ ଇକ୍ଷାକୁ ବଂଶର ରାଜା ଚିତ୍ରଭାନୁଙ୍କ କାହାଣୀ ଉଦ୍ଧାର କରିଥିଲେ । ଜମ୍ବୁଦ୍ୱୀପର ରାଜା ଚିତ୍ରଭାନୁଙ୍କ ସ୍ତ୍ରୀ ଥରେ ଶିବରାତ୍ରି ଉପବାସ ପାଳନ କରିଥିଲେ । ସେ ସମୟରେ ଋଷି ଅଷ୍ଟବକ୍ର ରାଜଦରବାରକୁ ଆସି ରାଜାଙ୍କୁ ଏହି ଦିବସ ପାଳନର କାରଣ ପୁଚ୍ଛାକରିଥିଲେ । ରାଜା ଜାତିସ୍ମର ଥିବାରୁ ନିଜ ପୂର୍ବଜନ୍ମର କାହାଣୀ ବର୍ଣ୍ଣନା କଲେ: ପୂର୍ବଜନ୍ମରେ ସୁସ୍ୱର ନାମରେ ସେ ଜଣେ ଶିକାରୀ ଥିଲେ । ଦିନେ ବଣରେ ବୁଲୁବୁଲୁ ସନ୍ଧ୍ୟା ହେଲା । ନିଜ କୁଟୀରକୁ ଫେରି ନ ପାରି ରାତିରେ ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷାପାଇବା ପାଇଁ ସେ ନିକଟରେ ଥିବା ବେଲଗଛ ଉପରକୁ ଚଢ଼ିଗଲେ । ରାତିସାରା ବେଲପତ୍ର ଛିଡ଼ାଇ ତଳକୁ ପକାଇବା ସହ ନିଜ ପରିବାର କଥା ଭାବି ଲୁହ ଝରାଇବାକୁ ଲାଗିଲେ । ତାଙ୍କ ଅଜାଣତରେ ସେହି ଲୁହ ଓ ପତ୍ର ବିଲ୍ୱ ବୃକ୍ଷର ପାଦଦେଶରେ ଥିବା ଶିବଲିଙ୍ଗ ଉପରେ ପଡୁଥାଏ । ସକାଳ ହେବାରୁ ସେ ଶିକାର ଧରି ଘରକୁ ଫେରିଲେ । ପ୍ରଥମେ ଜଣେ ଭିକ୍ଷୁକୁ କିଛି ଖାଦ୍ୟ ଦାନକରି ନିଜେ ଖାଦ୍ୟଗ୍ରହଣ କଲେ । କିଛି ବର୍ଷ ପରେ ତାଙ୍କ ମୃତ୍ୟୁ ହେବାରୁ ସେ ଶୈବଲୋକ ପ୍ରାପ୍ତ ହେଲେ । ଅଜ୍ଞାତରେ, ସେ ଶିବରାତ୍ରି ଦିନ ଉପବାସ ରହି ଶିବଲିଙ୍ଗ ଉପରେ ବେଲପତ୍ର ଓ ଲୋତକ ସମର୍ପଣ କରିଥିବାରୁ ସେ ଶିବଙ୍କ ପାଖରେ ରହିବାର ସୁଯୋଗ ଲାଭ କରି ପରଜନ୍ମରେ ଚିତ୍ରଭାନୁ ରୂପରେ ରାଜଗାଦି ଭୋଗ କଲେ ।
ସମଗ୍ର ଓଡ଼ିଶାର ଶୈବପୀଠ, ବିଶେଷ କରି ଭୁବନେଶ୍ୱର ର ଲିଙ୍ଗରାଜ ମନ୍ଦିର, ପୁରୀର ଶ୍ରୀ ଲୋକନାଥ ମନ୍ଦିର, ଆରଡ଼ି, କପିଳାସ, ଗୁପ୍ତେଶ୍ୱର, ବେଦବ୍ୟାସ, ଭୁବନେଶ୍ୱର, ମହେନ୍ଦ୍ରଗିରି, ହରିଶଙ୍କର ଓ ହୁମାରେ ଥିବା ଶୈବ ପୀଠରେ ଏହିଦିନ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଏହା ପାଳନ କରିଥାନ୍ତି ।
ଶିବଙ୍କ ପୂଜା ଉପାସନା ନିମନ୍ତେ ସୋମବାର, ପ୍ରତ୍ୟେକ ପକ୍ଷର ଚତୁର୍ଦ୍ଦଶୀ ତିଥି ଓ ଶିବରାତ୍ରି ସର୍ବୋକୃଷ୍ଟ । ଅନ୍ୟ ଦେବତାଙ୍କ ପୂଜା ଦିନରେ ହେଉଥିବାବେଳେ ଏହି ପର୍ବରେ ଭଗବାନ ଶିବଙ୍କର ପୂଜା ରାତିରେ ହେଇଥାଏ।
ବ୍ରତାଚାରୀମାନେ ଉକ୍ତ ଦିନରେ ଉପବାସ ରହନ୍ତି ଓ ସନ୍ଧ୍ୟାରେ ଶିବ ମନ୍ଦିର ଯାଇ ଅଖଣ୍ଡ ଦୀପ ଜାଳି ଉଜାଗର ରହନ୍ତି । ସେହି ରାତ୍ରିର ଚାରିପ୍ରହରରେ ଦୀପ ଜାଳିବା ସହିତ ଶିବଙ୍କର ପୂଜା ସହିତ ନାମ ଜପ କରାଯିବାର ବିଧି ରହିଛି । ଗୁରୁଦତ୍ତ ନାମ ଜପର ବିଧି ରହିଛି ଯିଏ ଗୁରୁ କରିନଥିବ ସେ ଶିବଙ୍କର ଅଷ୍ଟନାମ ଯଥା- ଭବ, ଶର୍ବ, ରୁଦ୍ର, ପଶୁପତି, ଉଗ୍ର, ମହାନ ଭୀମ, ଈଶାନ ମଧ୍ୟରୁ ଯେକୌଣସି ନାମ କିମ୍ବା ‘ ଓଁ ନମଃ ଶିବାୟ’ ପଞ୍ଚାକ୍ଷର ମନ୍ତ୍ର ଜପ କରିପାରିବ ।
ଶିବରାତ୍ରିକୁ ଚାରୋଟି ପ୍ରହରରେ ସମ୍ପନ୍ନ କରାଯାଏ । ପ୍ରତ୍ୟେକ ପ୍ରହରର ସମୟ ତିନି ଘଟିକା । ପ୍ରଥମ ପ୍ରହର ବା ସନ୍ଧ୍ୟା ସମୟରେ ଶିବଲିଙ୍ଗକୁ ଦୁଗ୍ଧରେ ଅଭିଷେକ କରାଯାଏ । ଦ୍ୱିତୀୟ ପ୍ରହର ବା ସନ୍ଧ୍ୟାର ପରବର୍ତ୍ତୀ ସମୟରେ ଲିଙ୍ଗକୁ ଦହିରେ ଅଭିଷେକ କରାଯାଏ । ତୃତୀୟ ପ୍ରହର ବା ଘୋର ରାତ୍ର ସମୟରେ ଶିବଲିଙ୍ଗକୁ ମହୁରେ ଅଭିଷେକ କରାଯାଏ । ରାତ୍ରର ଶେଷ ପ୍ରହର ସମୟରେ ଶିବ ମନ୍ଦିରର ଚୁଡ଼ାଦେଶକୁ ମହାଦୀପ ଉଠାଯାଏ । ସାରା ସଂସାରରୁ ଅଜ୍ଞାନରୂପକ ଅନ୍ଧକାରକୁ ଦୂରକରି ଆଲୋକ ପ୍ରଦାନ କରିବା ହେଉଛି ମହାଦୀପ ଉଠାଣର ଉଦ୍ଦେଶ୍ୟ । ରାତ୍ରର ପ୍ରତ୍ୟେକ ପ୍ରହରରେ ଶିବଲିଙ୍ଗକୁ ପୁଷ୍ପ, ପତ୍ର ଓ ଫଳ ଆଦି ପ୍ରଦାନ କରାଯାଇ ଉପାସନା କରାଯାଏ । ଏହିଦିନ ଭଗବାନ ଶିବଙ୍କ ଉପରେ କେତକୀଫୁଲ ଚଢ଼ାଯିବାର ବିଧି ରହିଛି ।
ଏହି ଦିନ ହିନ୍ଦୁ ନରନାରୀ ଶୁଦ୍ଧପୂତ ଭାବରେ ଉପବାସ ପୂର୍ବକ ଅଖଣ୍ଡ ଦୀପ ଜାଳି ରାତ୍ରି ଉଜାଗର ରହି ବ୍ରତ ପାଳୁଥିବାରୁ ଏହାକୁ ଜାଗର ଓଷା ବା ଜାଗର ବ୍ରତ ମଧ୍ୟ କୁହାଯାଇଥାଏ । ଆତ୍ମ କଲ୍ୟାଣର ରାସ୍ତାକୁ ପରିସ୍କାର କରିବାପାଇଁ ଅଖଣ୍ଡ ସଜାଗତା ଓ ଜ୍ଞାନର ଆଲୋକ ଏ ଦୁଇଟିର ଆବଶ୍ୟକତା ରହିଛି ବୋଲି ଏଇ ପର୍ବ ଶିକ୍ଷା ଦିଏ । ମଝିରାତିକୁ ମନ୍ଦିରର ଶିଖରକୁ ବିଶାଳ ମହାଦୀପ ନିଆଯାଏ । ତାହାକୁ ଦର୍ଶନ କରି ଭକ୍ତମାନେ ବିହ୍ୱଳ ହୁଅନ୍ତି । ପରଦିନ ସ୍ନାନାଦି ସମାପନ କରି ଭକ୍ତମାନେ ସେମାନଙ୍କ ଉପବାସ ଭଙ୍ଗ କରନ୍ତି।
ଶ୍ରୀରାମଚରିତ ମାନସ: ବାଲ କାଣ୍ଡ
Next Articleପୁଣ୍ୟ ପବିତ୍ର ମହେନ୍ଦ୍ରଗିରିକୁ ଛୁଟିଛି ଶିବ ଭକ୍ତଙ୍କ ସୁଅ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
