ଶ୍ରୀମନ୍ଦିରରେ ବସନ୍ତ ପଞ୍ଚମୀ

ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣି

ଏହି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପଞ୍ଚପଲ୍ଲବ ଲାଗି ହୁଏ ଓ ରଥଯାତ୍ରା ନିମନ୍ତେ ରଥକାଠ ଅନୁକୂଳ କରାଯାଏ ।

ପୌରାଣିକ ମତରେ ଶ୍ରୀକୃଷ୍ଣ ଶ୍ରୀରାଧା ଏକତ୍ର ପୁଷ୍ପ ଆଭରଣ ମଣ୍ଡିତ ପୂର୍ବକ ଫଗୁ ବା ଚାଚେରୀ ଖେଳୁଥିବାର ସ୍ମୃତି ସ୍ୱରୂପ ବସନ୍ତ ପଞ୍ଚମୀ ପାଳିତ ହୋଇଥିଲା। ମାଘ ଶୁକ୍ଳ ପଞ୍ଚମୀରେ ଶ୍ରୀଜୀଉମାନଙ୍କର ଘୋଡ଼ବସ୍ତ୍ର କଢ଼ାଯାଇ ‘ଜାମାଲାଗି’ ବସ୍ତ୍ର ପିନ୍ଧାଯାଏ । ଉକ୍ତ ତିଥିରେ ଶ୍ରୀଜଗନ୍ନାଥଙ୍କର ପାରମ୍ପରିକ ରଥଯାତ୍ରାର ରଥ ନିର୍ମାଣ ନିମନ୍ତେ ପ୍ରଥମ କରି ରଥକାଠ ବନବିଭାଗରୁ ଶ୍ରୀକ୍ଷେତ୍ରକୁ ଆସି ରାଜନଅର ସମ୍ମୁଖରେ ତିନିବାଡ଼ର ତିନିରଥ ନିର୍ମାଣ ନିମନ୍ତେ ତିନିଗୋଟି କାଠକୁ ପାରମ୍ପରିକ ଭାବେ ପୂଜାର୍ଚ୍ଚନା କରାଯାଇ ଶୁଭ ଦିଆଯାଇଥିଲା । ସେହି ତିନିଗୋଟି କାଠଗଣ୍ଡିରେ ତିନିରଥର କୋଣଗୁଜ ନିର୍ମାଣ କରାଯାଇ ନୃସିଂହଙ୍କ ମୂର୍ତ୍ତି ଖୋଦେଇ କରାଯାଏ ।

ଶ୍ରୀ ଜୀଉ ମାଘ ଶୁକ୍ଳପଞ୍ଚମୀ ତିଥିରୁ ନିଜର ଶୀତବସ୍ତ୍ରକୁ ପରିହାର କରି ଗୈରିକ ବର୍ଣ୍ଣର ବସ୍ତ୍ର ପରିଧାନ କରନ୍ତି । ଭୋଗବିଳାସର ଋତୁ ବସନ୍ତର ଆଗମନରେ ପ୍ରଭୁ ନିଜେ ସମସ୍ତ ବିଳାସ ତ୍ୟାଗକରି ବ୍ରହ୍ମଚାରୀ ବେଶରେ ସମୟ ଅତିବାହିତ କରିବାକୁ ଏବଂ ସଂଯମୀ ହେବାକୁ ଭକ୍ତଙ୍କୁ ଆହ୍ୱାନ ଦେଇଥାନ୍ତି । ତେଣୁ ସେ ନିଜେ ହେଙ୍ଗୁ ଓ ହରଡ଼ ଗୁଣ୍ଡରେ ପ୍ରସ୍ତୁତ ବସନ୍ତ ପିଷ୍ଟକ ଗ୍ରହଣ କରିଥାନ୍ତି । ଶ୍ରୀମନ୍ଦିରରେ ବସନ୍ତ ଉତ୍ସବ ପାଳନ ସହ ଏହି ତିଥିରୁ ବେଣ୍ଟଯାତ୍ରା ଆରମ୍ଭ ହୋଇ ଦୋଳ ଯାଏଁ ଚାଲିଥାଏ । ବେଣ୍ଟଯାତ୍ରା ଠାକୁରଙ୍କର ଶିକାର ଯାତ୍ରା । ବୈଷ୍ଣବ ମତରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କର ଏହା ବନଗମନ ସମୟ । ପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରତିନିଥି ଭାବେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କର ବିଗ୍ରହ ବେଣ୍ଟପୋଖରୀ ପାଖକୁ ଶିକାରରେ ଯାଆନ୍ତି । ବେଣ୍ଟ ପୋଖରୀରେ ମୃଗ ଭାବେ ନଡ଼ିଆ ଏବଂ କସ୍ତୁରୀପୁଡ଼ିଆ ରଖାଯାଏ । ଠାକୁର ତାକୁ ବାଣ ସଂଯୋଗ କରନ୍ତି ।
ଏହି ଦିନ ଶ୍ରୀଜୀଉମାନଙ୍କର ସନ୍ଧ୍ୟାଧୂପ ପରେ ସରସ୍ୱତୀ ଦେବୀଙ୍କ ମନ୍ଦିରରେ ମାଦଳା ପାଞ୍ଜି ପୂଜା କରାଯାଇଥିଲା ।

Comments are closed.