ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ନୀତି ନିର୍ଘଣ୍ଟ, ଦିନ ସାଢ଼େ ୩ଟାରେ ରଥ ଟଣା

ଭୁବନେଶ୍ୱର – ଏପ୍ରିଲ ୯ରେ ଶ୍ରୀଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା। ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକରେ ଅପରାହ୍ନ ସାଢ଼େ ୩ଟାରେ ରଥ ଟଣା ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଛି। ଏଥର ସର୍ବସାଧାରଣ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ଅନୁମତି ଦେବାକୁ ସେବାୟତମାନେ ଦାବି କରିଛନ୍ତି।

ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୫ଟାରେ ଠାକୁରଙ୍କ ଆଳତି, ଅବକାଶ ନୀତି ସମ୍ପନ୍ନ ହୋଇ ୫ଟା ୩୦ରୁ ଘଣ୍ଟାଏ ପର୍ଯ୍ୟନ୍ତ ଠାକୁରଙ୍କ ସାହାଣ ମେଲା ଦର୍ଶନ ରହିବ। ଏହାପରେ ରୋଷହୋମ, ପାକକାର୍ଯ୍ୟ ସମ୍ପନ୍ନ ହୋଇ ଛାମୁ ପରିଷ୍କାର ହେବ। ସକାଳ ୭ଟାରୁ ୮ଟା ଭିତରେ ମହାସ୍ନାନ, ବେଶ, ଦ୍ୱାରପାଳ ଓ ସୂର୍ଯ୍ୟଦେବଙ୍କ ପୂଜା ବିଧିମତେ କରାଯିବ। ଶ୍ରୀଜିଉଙ୍କ ବଲ୍ଲଭ, ମା’ ଗୋପାଳୁଣୀ ଠାକୁରାଣୀଙ୍କ ବଲ୍ଲଭ ଆଦି ସମାପନ ପରେ ପୂର୍ବାହ୍ନ ୯ଟା ୧୫ ସୁଦ୍ଧା ସକାଳ ଧୂପ ନୀତି ସରିବ। ଭୋଗ ମଣ୍ଡପ ନୀତି ୯ଟା ୪୫ରେ ଆରମ୍ଭ ହୋଇ ଘଣ୍ଟାକ ଭିତରେ ସରିବ। ଏହାପରେ ଅନ୍ୟାନ୍ୟ ପୂଜାନୀତି ସମ୍ପନ୍ନ ହୋଇ ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ଟା ମଧ୍ୟରେ ମହାପ୍ରଭୁଙ୍କ ଯାତ୍ରା ପୂଜା ସମାପନ ହେବ। ସାଢ଼େ ୧୨ଟାରୁ ୧ଟା ମଧ୍ୟରେ ମହାପ୍ରଭୁ ରଥକୁ ପହଣ୍ଡି ବିଜେ କରିବେ।

Comments are closed.