ପଣା ସଂକ୍ରାନ୍ତି (ମହାବିଷୁବ ସଂକ୍ରାନ୍ତି) ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ । ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ ।
ଏହି ଦିନ ପ୍ରତ୍ୟେକ ଓଡ଼ିଆ ଘରେ ତୁଳସୀ ଚଉରା ମୂଳରେ ଏକ ଛୋଟ ମାଠିଆରେ ପଣା ରଖି ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇ ଥାଏ । ଏହି ଠେକିକୁ ବସୁନ୍ଧରା ଠେକି କୁହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ । ସମସ୍ତ ଶକ୍ତିପୀଠ ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କ ରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡ ନାଟର ଅନ୍ତଭାବେ ଏହିଦିନ ମେରୁ ଯାତ ପାଳନ କରାଯାଏ । ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ ।
ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କ ଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ ।
ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ । ପଣାସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ର ମାନ ଖୋଲାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ । ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ । ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି ।
ଏହି ପବିତ୍ର ତିଥିର ପୁଣ୍ୟ ଲଗ୍ନରେ ଭାରତର ବୈଷ୍ଣବ ଜଗତର ଶିରୋମଣି ଶ୍ରୀଶ୍ରୀ ରାଧାରମଣ ଦେବଙ୍କ ଶୁଭ ଆବିର୍ଭାବ ତିଥି ଗୌଡିୟ ମଠ ମନ୍ଦିର ରେ ନିଷ୍ଠାର ସହିତ ପାଳନ କରାଯାଏ।ବିଶେଷ କରି ଶ୍ରୀଧାମ ନବଦ୍ବୀପ ଓ ଶ୍ରୀଧାମ ପୁରୀ ଓ କଟକରେ ଏହା ଆୟୋଜିତ ହୋଇଥାଏ।
ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍ଯାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦ୍ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି । ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି ।