ଭୁବନେଶ୍ବର – ରାଜ୍ୟରେ ଏବେ ଗରମ, ଗୁଳୁଗୁଳି ଜାରି ରହିଛି। ଗତକାଲି ରାଜ୍ୟର ୧୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ବଲାଙ୍ଗୀରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଛି। ଏଠାରେ ଦିନ ତାପମାତ୍ରା ୪୨.୨ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଆସନ୍ତା ୫ ଦିନ ଯାଏଁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତା ପର୍ଯ୍ୟନ୍ତ ପରିବ୍ୟାପ୍ତ। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି। ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏଥିସହ ୩୦ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ତେବେ କାଳବୈଶାଖୀ ବିଶେଷ ପ୍ରଭାବ ପକାଇବ ନାହିଁ। ରାଜ୍ୟରେ ବିଶେଷ କରି ଉପକୂଳରେ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ଆଜି ଭୁବନେଶ୍ବର ଓ ସଂଲଗ୍ନ ଅଞ୍ଚଳଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରି ରହିବ।