ଲେଖକ: ଗୁରୁ ଚରଣ ଦାସ
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜ୍ବରରେ ପ୍ରପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏଣୁ ଏହି କାଳକୁ ଅଣସର ବା ଅନବସର ଲୀଳା କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ଵର ହୋଇଛି ବୋଲି ଭକ୍ତ ଭାବନାରେ ବିଚାର କରାଯାଏ । ଜ୍ଵର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ଵାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ଅଣସର ସମୟରେ ଗର୍ଭଗୃହରେ ଦାରୁ ବିଗ୍ରହଙ୍କ ବଦଳରେ ପଟିଦିଅଁଙ୍କୁ ପୂଜା କରାଯାଇଥାଏ । ବଡ଼ଠାକୁରଙ୍କର ପଟିଦିଅଁ ବାସୁଦେବ, ଦେବୀ ସୁଭଦ୍ରାଙ୍କର ପଟିଦିଅଁ ଭାବେ ଯାଜ୍ଞସେନୀ ବା ଭୁବନେଶ୍ଵରୀ ଓ ଜଗନ୍ନାଥଙ୍କ ପଟିଦିଅଁ ଭାବେ ନାରାୟଣ ପୂଜା ପାଇଥାନ୍ତି ।
ଦାରୁବିଗ୍ରହମାନେ ରତ୍ନ ସିଂହାସନରେ ଯେଉଁ ରୂପରେ ପୂଜା ପାଆନ୍ତି ପଟ୍ଟଚିତ୍ର ଗୁଡ଼ିକ ସେହି ଆକୃତିର ନୁହେଁ । କାଷ୍ଠ ନିର୍ମିତ ସୁଦୃଶ୍ୟ ଆସରେ ବସିଥିବା ପରି ଅଙ୍କିତ ହୋଇଥିବା ଚିତ୍ରରେ ସମସ୍ତ ଦିଅଁ ଚତୁଃହସ୍ତ ଓ ଦୁଇପଦ ବିଶିଷ୍ଟ ହୋଇ ପଦ୍ମାସନରେ ବସିଥାଆନ୍ତି । ବଳଭଦ୍ରଙ୍କ କଳେବର ଶ୍ଵେତବର୍ଣ୍ଣରେ ଚିତ୍ରିତ ହେଇଥାଏ । ଚତୁଃହସ୍ତରେ ସେ ଧାରଣ କରିଥାଆନ୍ତି ଶଙ୍ଖ, ଚକ୍ର, ଗଦା ଓ ହଳ । ହରିଦ୍ର ବର୍ଣ୍ଣା ସୁଭଦ୍ରା ଦୁଇ ଉର୍ଦ୍ଧ୍ଵ ହସ୍ତରେ ପଦ୍ମ ଧରିଥାଆନ୍ତି ଓ ନିମ୍ନ ହସ୍ତ ଦୁଇଟି ଥାଏ ବରଦା ମୁଦ୍ରାରେ । କଳା ରଙ୍ଗରେ ଚିତ୍ରିତ ଜଗନ୍ନାଥ ଚାରିହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧରିଥାଆନ୍ତି । ସମସ୍ତ ଦେବତାଙ୍କ ପୃଷ୍ଠପଟ୍ଟ ଗାଢ଼ନାଲି ରଙ୍ଗରେ ଚିତ୍ରିତ ହେଇଥାଏ ।
ଅଣସର ପଟି ତିନୋଟିକୁ ବଂଶାନୁକ୍ରମେ କେତେକ ଚିତ୍ରକର ଖୁବ ନିଷ୍ଠାରେ ପ୍ରସ୍ତୁତ କରିଥାଆନ୍ତି । ଚିତ୍ର କରିବା ସମୟତକ ସେମାନେ ନିରାମିଷା ଭକ୍ଷଣ କରନ୍ତି । କାମ ଚାଲିଥିବା କୋଠରୀକୁ ସ୍ତ୍ରୀ ଲୋକଙ୍କ ପ୍ରବେଶ ନିଷେଧ ଥାଏ । ଚିତ୍ର ପାଇଁ ଧଳାରଙ୍ଗ ଶଙ୍ଖରୁ ପ୍ରସ୍ତୁତ ହେଉଥିବା ବେଳେ, କଳାରଙ୍ଗ ନିମନ୍ତେ ପୋଲାଙ୍ଗ ଦୀପର କଳା, ହିଙ୍ଗୁଳରୁ ନାଲି, ହରିତାଳରୁ ହଳଦିଆ ଓ ଖଣ୍ଡନୀଳରୁ ନୀଳ ରଙ୍ଗ ପ୍ରସ୍ତୁତ କରାଯାଇଥାଏ । ସ୍ନାନ ପୂର୍ଣ୍ଣିମା ଦିନ ଗଭୀର ରାତିରେ, ବାଇଦ ବାଜଣା ସହ ଚିତ୍ରକାରମାନେ ଅଣସର ପଟ୍ଟିଗୁଡ଼ିକୁ ମନ୍ଦିରକୁ ଆଣନ୍ତି । ଆଷାଢ଼ ପ୍ରତିପଦାରୁ ଅମାବାସ୍ୟା ଯାଏଁ ଏକ ପକ୍ଷ ବ୍ୟାପି ଏହି ପଟି ଦେବତାଙ୍କ ଆଗରେ ଭୋଗ ବଢ଼ାଯାଏ । ଅଣସର ଘରେ ଠାକୁରମାନଙ୍କୁ ପଣା ଓ ଚକଟା ଭୋଗ ଆଦି କରାଯାଉଥିବା ବେଳେ ପଟିଦିଅଁଙ୍କୁ ଅନ୍ନଭୋଗ କରାଯାଇଥାଏ । ଗର୍ଭଗୃହ ସଂଲଗ୍ନ ଦକ୍ଷିଣ ଘରୁ ସେବାୟତମାନେ ସାତଗୋଟି ଚଳନ୍ତି ପ୍ରତିମା ଆଣି ଅଣସର ଘର ବାହାରପଟେ ପକାଯାଇଥିବା ଗୋଟିଏ ଖଟ ଉପରେ ବିଜେ କରାନ୍ତି ।
ବଳଭଦ୍ରଙ୍କ ଆସ୍ଥାନ ସମୀପରେ ରାମ, ନୃସିଂହ ଓ ଦୋଳଗୋବିନ୍ଦଙ୍କ ବିଗ୍ରହ ରହେ, ସୁଭଦ୍ରାଙ୍କ ସମୀପରେ ରହେ ଲକ୍ଷ୍ମୀ ଓ ସରସ୍ଵତୀଙ୍କ ବିଗ୍ରହ ଦ୍ଵୟ ଏବଂ ଶ୍ରୀଜଗନ୍ନାଥଙ୍କ ସମ୍ମୁଖରେ ରହେ ମଦନମୋହନ ଓ କୃଷ୍ଣଙ୍କ ପ୍ରତିମୂର୍ତ୍ତି । ଏହି ସମୟରେ ଜଗନ୍ନାଥଙ୍କ ସ୍ଥାନରେ ଭକ୍ତମାନେ ବ୍ରହ୍ମଗିରିର ଅଲାରନାଥଙ୍କୁ ବିଷ୍ଣୁରୂପରେ ଦର୍ଶନ କରିଥାନ୍ତି ।
ଘୋଷଣା: ଏହି ସ୍ତମ୍ଭରେ ପ୍ରକାଶ ପାଇଥିବା ମତାମତ ଲେଖକଙ୍କ ନିଜସ୍ବ ବ୍ୟକ୍ତିଗତ ବିଚାର ଅଟେ। ଏଥିରେ ସମ୍ବଳିତ ତଥ୍ୟ ବା ମତାମତ newsroomodisha.com ଦୃଷ୍ଟିକୋଣକୁ ପ୍ରତିଫଳିତ କରୁନାହିଁ କିମ୍ଵା newsroomodisha.com ଏ ନେଇ କୈାଣସିମତେ ଉତ୍ତରଦାୟୀ ନୁହେଁ।