ଆଗାମୀ ୫ ଦିନ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ | News Room Odisha

ଆଗାମୀ ୫ ଦିନ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର – ବାଂଲାଦେଶ ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ରହିଛି ।ଏହାର ପ୍ରଭାବରେ, ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।ସୋମବାର ମଧ୍ୟାହ୍ନ ସୁଦ୍ଧା କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ନୂଆପଡା, କନ୍ଧମାଳ, ମାଲକାନଗିରି, କୋରାପୁଟ, ସୋନପୁର, ନବରଙ୍ଗପୁର, ଭଦ୍ରକ, ଯାଜପୁର, କଟକ, ଦେବଗଡ, ଢ଼େଙ୍କାନାଳ, ମୟୂରଭଞ୍ଜ, ଝାରସୁଗୁଡା, ବାଲେଶ୍ୱର ଓ ଅନୁଗୁଳ ପ୍ରଭୃତି ୧୭ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।