ଆଜି ଶ୍ରୀମନ୍ଦିରରେ ଚିତାଲାଗି ନୀତି: ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ- ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ଚନୀତି। ପ୍ରଥମ ଭୋଗମଣ୍ଡପ ଶେଷ ପରେ ସର୍ବସାଧାରଣ ଦର୍ଶନ ଆପାତତଃ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ । ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି । ଏହି ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ତିନିଠାକୁରଙ୍କ ଲଲାଟରେ ଦଇତାପତିମାନେ ଚିତା ଲାଗି କରୁଥିବାରୁ ଏହାର ନାମ ଚିତାଲାଗି ଅମାବାସ୍ୟା ।ସ୍ନାନ ପୂର୍ଣ୍ଣିମାଦିନ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଲଲାଟରୁ ଯେଉଁ ଚିତା ଉଲାଗି କରାଯାଇଥାଏ ତାହା ପୁଣି ଶ୍ରାବଣ ମାସ ଅମାବାସ୍ୟା ତିଥିରେ ଲାଗି କରାଯାଏ । ଶ୍ରୀଜଗନ୍ନାଥଙ୍କ ମସ୍ତକରେ ହୀରାଖଚିତ ଧଳା ଚିତା, ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ନୀଳାଖଚିତ ନିଳ ଚିତା ଏବଂ ଦେବୀ ସୁଭଦ୍ରାଙ୍କ ମସ୍ତକରେ ମାଣିକ୍ୟ ଖଚିତ ନାଲି ଚିତା ଲାଗି କରାଯାଏ । ପରମ୍ପରା ଏବଂ ବିଧିମୁତାବକ ପତିମହାପାତ୍ର ସେବାୟତ ଏହି ଚିତାକୁ ସଂସ୍କାର କରିବା ପରେ ଦଇତାପତି ସେବାୟତ ଶ୍ରୀବିଗ୍ରହଙ୍କ ମସ୍ତକରେ ପରିଧାନ କରାଇଥାନ୍ତି । ଏହି ଚିତା ଶ୍ରୀବିଗ୍ରହମାନଙ୍କ ମସ୍ତକରେ ପରବର୍ତ୍ତୀ ସ୍ନାନପୂର୍ଣ୍ଣିମା ପର୍ଯ୍ୟନ୍ତ ଲାଗି ରହିଥାଏ ।

Comments are closed.