ମୌସୁମୀ ସ୍ଥିତି ଦୁର୍ବଳ: ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର – ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ଆଗାମୀ କିଛ ଦିନ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ଏ ପରିସ୍ଥିତିରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ଆସନ୍ତା ୩ ଦିନ ମଧ୍ୟରେ ଦିନ ବେଳା ସର୍ବାଧିକ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ସେଲ୍‌ସିୟସ୍ ଅଧିକ ରହିବା ସମ୍ଭାବନା ରହିଛି। ବିଶେଷ କରି ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଦିନର ତାପାମାତ୍ରା ବୃଦ୍ଧି ସହ ଅସହ୍ୟ ଗୁଳୁଗୁଳି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଜୁଲାଇ ୩୦ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Comments are closed.