ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିବା ପାଇଁ ପାଳନ କରାଯାଏ ରାକ୍ଷୀପୂର୍ଣ୍ଣିମା।ପକ୍ଷାନ୍ତରେ ଆଜି ଝୁଲଣ ପୂର୍ଣ୍ଣିମା

ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହିପର୍ବ ଭାଇ ଓ ଭଉଣୀ ଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କ ର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ ।ଏହା ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ଏହିପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ ।

ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନରୀତିରେ ପାଳିତ ହେଇଆସୁଛି । ଗୁଜରାଟ,ମହାରାଷ୍ଟ୍ର,ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହିପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ ।

ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ ।

ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ । ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜାବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି ।

ଅସୁର ମାନଙ୍କ ରାଜା ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ଼ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ ।

ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।

ମହାଭାରତରେ ମଧ୍ୟ ଏପରି ଏକ ପୌରାଣିକ କାହାଣୀ ରହିଛି।କାହାଣୀଟି କୃଷ୍ଣ ଓ ଦ୍ରୌପଦୀଙ୍କୁ ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାକୁ ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥିଭାବେ ମଧ୍ୟଗ୍ରହଣ କରାଯାଏ । ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ । ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି । କୃଷ୍ଣଙ୍କ ବଡ଼ ଭାଇ ଭଗବାନ ବଳରାମ ଏହି ଦିନ ଅବତୀର୍ଣ୍ଣ ହୋଇଥିଲେ, ତେଣୁ ଏହି ଦିନଟିକୁ ବଳରାମ ଜୟନ୍ତୀ ରୂପେ ପାଳନ କରାଯାଏ । ବ୍ରାହ୍ମଣମାନେ ଏହି ଦିନ ମନ୍ତୁରା ପଇତା ମଧ୍ୟ ପ୍ରଦାନ କରିଥାନ୍ତି, ଏହି ପଇତା ପିନ୍ଧିଲେ ବ୍ରହ୍ମରାକ୍ଷସ କବଳରୁ ମୁକ୍ତି ମିଳେ ବୋଲି ମଧ୍ୟ ବିଶ୍ୱାସ ରହିଛି ।

ଗହ୍ମା ପୂର୍ଣ୍ଣିମା ଦିନ ସବୁ ପାଳିତ ପଶୁ ଗାଈ, ଗୋରୁ ଆଦିଙ୍କୁ ସଜାଯାଏ ଏବଂ ପୂଜା କରାଯାଏ । ବିଭିନ୍ନ ପ୍ରକାରର ପିଠା ଓ ମିଠା ତିଆରି କରାଯାଏ ଏବଂ ପରିବାର, ବନ୍ଧୁ ବାନ୍ଧବମାନଙ୍କ ମଧ୍ୟରେ ବଣ୍ଟାଯାଏ

ଏହି ଦିବସ ଟିକୁ ମଧ୍ୟ ଝୁଲଣ ପୂର୍ଣ୍ଣିମା ନାମରେ ନାମିତ କରାଯାଇଛି। ଶ୍ରାବଣ ମାସରେ ଶୁକ୍ଳପକ୍ଷ ଦଶମୀଠାରୁ ଭାଦ୍ରବ ପ୍ରତିପଦ ପର୍ଯ୍ୟନ୍ତ ୭ଦିନ ଏହି ଝୁଲଣ ଯାତ୍ରା ପର୍ବ ପାଳନ କରାଯାଏ । ଭଗବାନ ଶ୍ରୀକୃଷ୍ଣ ଏବଂ ରାଧା ଯୁଗଳ ବିଗ୍ରହ ଏହି ବର୍ଷା ଋତୁରେ ଦୋଳି ଖେଳି ଆନନ୍ଦ ନେଇଥାନ୍ତି । ରାଧା କୃଷ୍ଣଙ୍କୁ ଝୁଲଣରେ ସଜାଯାଇ ଦୋଳି ଖେଳା ଯାଇଥାଏ। ଏହି ଝୁଲଣ ଯାତ୍ରାର ଅନ୍ତିମ ଦିବସ ହେଉଛି । ଗହ୍ମା ପୂର୍ଣ୍ଣିମା ବା ଝୁଲଣ ପୂର୍ଣ୍ଣିମା।

Comments are closed.