ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଶାଣିତ କରିବାକୁ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର – ବିପର୍ଯ୍ୟୟ ପରିଚାଳନାରେ ଆନ୍ତର୍ଜାତିକ ସ୍ୱୀକୃତି ହାସଲ ସହ ରାଜ୍ୟ ସରକାର ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ିଭୁତ ଏବଂ ଶାଣିତ କରିବା ନିମନ୍ତେ ପଦକ୍ଷେପ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିପର୍ଯ୍ୟୟ ମୁକାବିଲା ସମ୍ବନ୍ଧିତ ରାଜ୍ୟସ୍ତରୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏ ବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିମାନ ନିଆଯାଇଛି ।

ଦ୍ରୁତ ପରିବର୍ତ୍ତନଶୀଳ ଜଳବାୟୁ ପରିପ୍ରେକ୍ଷୀରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ ଓ ଶାଣିତ କରାଯିବ। ଏଥିପାଇଁ ଓଡ଼୍ରାଫ୍, ଅଗ୍ନିଶ୍ରମ ସେବା ୟୁନିଟ୍, ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ୟୁନିଟ୍ ଗୁଡିକୁ ଅତ୍ୟାଧୁନିକ ଯନ୍ତ୍ରପାତି ଓ ଉପକରଣ ଯୋଗାଇ ଦିଆଯିବ । ନିୟମିତ ବ୍ୟବଧାନରେ ତାଲିମ ଦିଆଯାଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଯିବ । ଏହା ବାବଦରେ ପ୍ରାୟ ୪ଶହ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ।

ସମ୍ଭାବ୍ୟ ସହରାଞ୍ଚଳ ବନ୍ୟା ନିୟନ୍ତ୍ରଣ ନିମନ୍ତେ ବଡ଼ ବଡ଼ ସହରମାନଙ୍କରେ ଥିବା ଡ୍ରେନ୍ ଓ ଜଳ ନିଷ୍କାସନ ବ୍ୟବସ୍ଥାକୁ ସଠିକ୍ ଭାବେ ସଂଯୋଜିତ କରିବା ତଥା ଡ଼୍ରେନ୍ ଗୁଡିକ ଉପରୁ ଜବର ଦଖଲ ହଟାଇବା, ଡ୍ରେନ୍ ପ୍ରଶସ୍ତିକରଣ ଏବଂ ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବାରମ୍ବାର ବନ୍ୟାରେ ପ୍ରଭାବିତ ହେଉଥିବା ଏବଂ ଆବଶ୍ୟକ ପରିମାଣର ଆଶ୍ରୟସ୍ଥଳୀ ନଥିବା ଗ୍ରାମମାନଙ୍କୁ ଚିହ୍ନଟ କରି ସେଠାରେ ବନ୍ୟା-ଆଶ୍ରୟସ୍ଥଳୀ ନିର୍ମାଣ କରିବା ସହ ଏହି ଅଞ୍ଚଳର ବନ୍ୟା ଘେରିବନ୍ଧକୁ ଅଧିକ ଉଚ୍ଚ ଓ ଦୃଢ଼ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପଟେ ବିପର୍ଯ୍ୟୟ ପରିଚାଳନା ଦକ୍ଷତା ଅଭିବୃଦ୍ଧି ଜରୁରୀ ରିଲିଫ, ମରାମତି, ପୁନଃ ସ୍ଥାପନ ଏବଂ ପ୍ରଭାବିତ ଲୋକଙ୍କୁ ବିଭିନ୍ନ ପ୍ରକାର ସହାୟତା ବଣ୍ଟନ ଆଦି ବାବଦରେ ବିଭାଗମାନଙ୍କୁ ଦିଆଯାଇଥିବା ଅନୁଦାନର ବିନିଯୋଗ ପ୍ରମାଣପତ୍ର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଦାଖଲ କରିବା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ ପୋଲିସ ମହାନିର୍ଦ୍ଦେଶକ ସୁନିଲ କୁମାର ବଂଶଲ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ସ୍ୱତନ୍ତ୍ର ରିଲିଫ୍ କିମଶନର ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଳ ସଂପଦ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଂଜୀବ ଚୋପ୍ରା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ଗ୍ରାମ ଉନ୍ନୟନ ଏବଂ ସୂଚନା ଓ ଲୋକସେବା ସଂପର୍କ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ପଂଚାୟତିରାଜ ଏବଂ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ସୁଶିଲ କୁମାର ଲୋହାନିଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ ।

Comments are closed.