ଆଜି ପବିତ୍ର ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ, ଶାରଦୀୟ ଦୁର୍ଗାପୂଜାର ଅନ୍ତିମ ତିଥି

ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ।ଏହା ଆୟୁଧପୂଜା ବାଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗାପୂଜା ଅଥବା ଉତ୍ତର ଭାରତରେ ପାଳିତ “ନବରାତ୍ରି” ସହିତ ପାଳିତ ହୋଇଆସୁଛି।

ଦଶହରା ଅବସରରେ ଖଣ୍ଡା, ଢାଲ ,ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପ କରଣ ଆଦି ଏହିଦିନ ପୂଜା କରାଯାଇଥାଏ ।

ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇ ଥିବାରୁ ଖଣ୍ଡା,ଢାଲ ଆଦି ଉପକରଣ ତଥା ନଥି କରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ ।ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କକୌଳିକ ପେଷାର ଉପକରଣ ମାନଙ୍କ ପ୍ରତି ଅଙ୍ଗୀକାର ବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।

ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିରେ ବର୍ଣ୍ଣିତ।ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟ ହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନ ହେଲେ ସେତେ ବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତକରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ। ସେହି ଯଜ୍ଞକୁଣ୍ଡରୁ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷ ରେ ଦେବୀ ସିଂହବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳ ଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗ ଦ୍ଵାରା ଶିରଚ୍ଛେଦ କଲେ ।

ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀ ଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେ ଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ। ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ ,ଏହା ଦେବତାମାନଙ୍କ ଦ୍ଵାରା ମା’ ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।

ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ । ଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ ‘ଦେବୀ ପୂଜା’ ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ ‘ବାସନ୍ତୀ ପୂଜା’ କୁହାଯାଏ । ଯେଉଁ ମା’ର ଶସ୍ୟ ଆହାର କରି ମାନବ ଜୀବିକା ନିର୍ବାହ କରେ, ସେହି ଧରିତ୍ରୀ ରାଣୀର ବୟଃ ପ୍ରାପ୍ତିରେ ଉତ୍ଫୁଲ୍ଲ ହୋଇ ଜନ-ମାନସ ବାସନ୍ତୀ ଦୁର୍ଗାଙ୍କ ପୂଜାର ଆୟୋଜନ କରେ, ମାତ୍ର ଏକ ସାର୍ବଜନୀନ ପୂଜା ରୂପେ ଶାରଦୀୟ ଦେବୀପୂଜା ହିଁ ଅଧିକ ଲୋକପ୍ରିୟତା ଅର୍ଜନ କରିଅଛି ।

ଏହି ମହାନ୍ ଶାରଦୀୟ ପର୍ବ ଭାରତର ପୁରପଲ୍ଲୀ ରେ ଦଶହରା ପର୍ବରୂପେ ପାଳନ କରାଯାଏ । ଏହି ପର୍ବର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା । ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ । ଜ୍ୟେଷ୍ଠମାସ ଶୁକ୍ଳ ଦଶମୀ ହେଉଛି ଗଙ୍ଗା ମା’ତା ଙ୍କର ଜନ୍ମଦିବସ । ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ କୁହାଯାଏ । ଏହି ତିଥିଟି ଲୋକମୁଖରେ ‘ଗଙ୍ଗା ଦଶହରା’ ନାମରେ ପରିଚିତ ।

ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମା’ସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ । ଏହି ଦୁର୍ଗାପୂଜାର ଶେଷ ଦିବସ । ଏହି ଦଶହରା ପର୍ବ ଭାରତରେ ସର୍ବଜନ ବିଦିତ ପର୍ବ । ତେଣୁ ‘ଦଶହରା’ କହିଲେ ସମସ୍ତ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି । ଏହି ପବିତ୍ର ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟ ରେ ଲଙ୍କା ଅଭିମୁଖେ ବିଜୟଯାତ୍ରା କରିଥିବାରୁ ଏହି ତିଥିକୁ ‘ବିଜୟା ଦଶମୀ’ କୁହାଯାଏ । ପୁଣି ଏହି ଦିବସର ଅବ୍ୟବହିତ ପୂର୍ବରୁ ସିଂହବାହିନୀ ଆଦ୍ୟା ଶକ୍ତି ଦୁର୍ଗା ଦୁର୍ଦ୍ଦମନୀୟ ମହିଷାସୁରକୁ ବଧ କରି ଦେବତାମାନଙ୍କର ମଙ୍ଗଳ ବିଧାନ କରିଥିଲେ ।ଦେବୀଙ୍କ ସହ ଦାନବମାନଙ୍କର ଯୁଦ୍ଧ କନ୍ୟା ମା’ସ ବା ଆଶ୍ୱିନ ମା’ସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ଧରି ଚାଲିଥିଲା । ଶୁକ୍ଳ ଅଷ୍ଟମୀ ଓ ନବମୀ ତିଥିରେ ମହାମାରୁ ହୋଇଥିଲା । ମହିଷାସୁର ସମେତ ସମସ୍ତ ଅସୁର ବଂଶ ନିପାତ ହେଲେ । ମହାମାରୁ ନବମୀ ରାତିର ଅନ୍ଧକାର ସହ ତ୍ରୈଲୋକ୍ୟରୁ ଅମଙ୍ଗଳର ଛାୟା ଅପସରି ଗଲା, ଶୁକ୍ଳ ଦଶମୀ ରେ ସବୁପ୍ରକାର ଶୁଭକାର୍ଯ୍ୟର ଆରମ୍ଭ ହେଲା । ଏହିଦିନ ଜଗତର ଦୁଃଖ ହରଣ ହୋଇଥିବାରୁ ଏହା ‘ଦୁଃଖହା ଦଶମୀ’ ନାମରେ ଖ୍ୟାତି ଲାଭ କରିଅଛି ବୋଲି ଆଦିକବି ଶୂଦ୍ରମୁନି ସାରଳା ଦାସ ‘ଚଣ୍ଡୀପୁରାଣ’ରେ ଲେଖିଛନ୍ତି । ‘ଦୁଃଖହା ଦଶମୀ’ ଦିନ ମହାଦଶାରୁ ଉଦ୍ଧାର ପାଇ ଦେବତାମାନେ ମହାଶକ୍ତି ବ୍ରହ୍ମମୟୀ ଦୁର୍ଗତିନାଶିନୀ ଦୁର୍ଗାଙ୍କୁ ସ୍ତୁତି କରିଥିବାରୁ ଏହି ତିଥିରେ ଦୁର୍ଗାଙ୍କର ଆରାଧନା କରାଯାଏ ।

ଦେବୀ ମାହାତ୍ମ୍ୟ’ ମତେ: ‘ଚଣ୍ଡୀ’ ଶୁଣି ରାଜ୍ୟଭ୍ରଷ୍ଟ ରାଜା ସୁରଥଙ୍କର ମୋହ ତୁଟିଯିବା ପରେ ସେ ଦୁର୍ଗାପୂଜାର ପରମ୍ପରା ସୃଷ୍ଟି କରିଥିଲେ । ଦେବୀ ପୀଠ ଗୁଡ଼ିକରେ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ବ୍ୟାପୀ ପୂଜା ଅନୁଷ୍ଠିତ ହୁଏ । ଏହାକୁ ଷୋଳପୂଜା କୁହାଯାଏ ।ଶୁକ୍ଳପକ୍ଷ ସପ୍ତମୀ ଦିନ ମୃଣ୍ମୟୀ ପ୍ରତିମା ଓ ଘଟ ସ୍ଥାପିତ ହୁଏ।ଅଷ୍ଟମୀଦିନ ମହାଷ୍ଟମୀ ପୂଜା ଓ ବଳିଦାନ କରାଯାଏ । ‘ବଳି’ ଶବ୍ଦର ଅର୍ଥ ହେଉଛି ଉପହାର । ଜଗତଜନନୀଙ୍କୁ ସନ୍ତୁଷ୍ଟ କରିବା ପାଇଁ କିଛି ଉପହାର ଦେବାକୁ ପଡେ । ତେଣୁ ଦେବୀପୂଜାରେ ବଳିଦାନର ବ୍ୟବସ୍ଥା ରହିଅଛି I ନବମୀ ଦିନ ରକ୍ତମୁଖା ଦେବୀଙ୍କୁ ଶାନ୍ତ କରିବା ପାଇଁ ଶାନ୍ତି ବୋଦା ପଡେ । ଦଶମୀ ଦିନ ମହା ସମାରୋହରେ ମୃଣ୍ମୟୀ ଦେବୀ ପ୍ରତିମା ଓ ଘଟ ବିସର୍ଜନ କରାଯାଏ । ପୁରୀଠାରେ ଦଶହରା ପରଦିନ ଦୁର୍ଗାଙ୍କର କ୍ରୋଧାନ୍ୱିତା ଶକ୍ତି ‘ଗୋସାଣୀ ଯାତ’ ଏବଂ ଏହି ତିଥିକୁ ଗୋସାଣୀ ଏକାଦଶୀ କୁହାଯାଏ । ଶାରଦୀୟ ଦୁର୍ଗାପୂଜାରେ ମହାସ୍ନାନ ବଳି ଏବଂ ହୋମର ବ୍ୟବସ୍ଥା ଥିବାରୁ ଏହାକୁ ‘ମହାପୂଜା’ ମଧ୍ୟ କୁହାଯାଏ । ବିବିଧ କାରଣରୁ ଦଶହରା ପର୍ବ ପାଳନ କରାଯାଉଥିବାରୁ ଏହା ଏକ ମହାନ ପାର୍ବଣରେ ପରିଣତ ହୋଇଅଛି । ଏହି ପର୍ବର ମହତ୍ତ୍ୱ ବିଷୟରେ ଦେବୀ ପୁରାଣରେ କୁହାଯାଇଛି ଯେ ଏହା ଏକ ମହାନ, ପବିତ୍ର ବ୍ରତ ଏବଂ ଏହି ବ୍ରତ ପାଳନ କଲେ ସିଦ୍ଧି ଲାଭ ହୁଏ ଓ ଶତ୍ରୁମାନେ ପରାଜିତ ହୁଅନ୍ତି । କୁରୁକ୍ଷେତ୍ର ଯୁଦ୍ଧ ଆରମ୍ଭର ପୂର୍ବରୁ ଶ୍ରୀକୃଷ୍ଣ ପାଣ୍ଡବମାନଙ୍କୁ ବନଦୁର୍ଗା ଙ୍କର ଆରାଧନା କରିବା ପାଇଁ ଉପଦେଶ ଦେଇ ଥିଲେ । ଇତିହାସ ପ୍ରସିଦ୍ଧ ଛତ୍ରପତି ଶିବାଜୀ ମଧ୍ୟ ମୋଗଲମାନଙ୍କ ସହ ଯୁଦ୍ଧ କରିବା ସମୟରେ ଦୁର୍ଗାଙ୍କର ଉପାସନା କରିଥିଲେ ।

ଦଶହରା ପର୍ବରେ ଦେବୀଙ୍କ ଶକ୍ତିର ପ୍ରତିଷ୍ଠା ପାଇଁ ଖଡ୍ ଗ ପୂଜା କରାଯାଏ ।ଦଶହରା ଦିନ ଗୁରୁବାର ପଡ଼ିଲେ ଗୃହିଣୀମାନେ ପରିବାରର ମଙ୍ଗଳ ଲାଗି ସୁଦଶାବ୍ରତ ପାଳନକରି ଗୃହ ଲକ୍ଷ୍ମୀଙ୍କ ପୂଜା କରନ୍ତି । ଭାଦ୍ରବ ମାସ ଶୁକ୍ଳ ଷଷ୍ଠୀଠାରୁ ଆରମ୍ଭ ହୋଇ ଥିବା ସୋମନାଥ ବ୍ରତର ଉଦ୍ ଯାପନ ପର୍ବ ମଧ୍ୟ ଦଶହରା ତିଥିରେ ପାଳିତ ହୁଏ । ପରମ- ଈଶ୍ୱରୀ ଦେବୀ ଦୁର୍ଗା ବିଶ୍ୱର ସକଳ ବସ୍ତୁରେ ପରିବ୍ୟାପ୍ତ । ସେ ମହାବିଦ୍ୟା, ମହାମାୟା ମହାଯୋଗେଶ୍ୱରୀ । ତାଙ୍କର ‘କ୍ଷର’ ବା ଶେଷ ନଥିବାରୁ ସେ ‘ଅକ୍ଷରା’ ।

ଦେବୀ ଭାଗବତର ମତେ, ରାବଣର ନିଧନ ପାଇଁ ବ୍ରହ୍ମାଙ୍କ ପରାମର୍ଶ ମତେ ଶ୍ରୀରାମ ବସନ୍ତ କାଳରେ ଦେବୀପୂଜା କରିବାକୁ ଚାହିଁଲେ।କାରଣ, ଶରତ କାଳ ଅକାଳ, ଆଷାଢ଼ ଶୁକ୍ଳ ଏକାଦଶୀ(ହରିଶୟନ ଏକାଦଶୀ) ଠାରୁ ହେମନ୍ତ ଶୁକ୍ଳଏକାଦଶୀ ପର୍ଯ୍ୟନ୍ତ ଦେବତାମାନେ ନିଦ୍ରା ଯାଆନ୍ତି । ବ୍ରହ୍ମାଙ୍କ ନିର୍ଦ୍ଦେଶ ମତେ ଶ୍ରୀରାମଚନ୍ଦ୍ର କନ୍ୟାରାଶିର ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଦେବୀଙ୍କ ଅକାଳ ବୋଧନ ନିମନ୍ତେ ପୂଜାର ଆୟୋଜନ କରିଥିଲେ । ଶ୍ରୀରାମ ଧ୍ୟାନ ବଳରେ, ଦେବୀ କୁମାରୀ ରୂପରେ ବିଲ୍ଵବୃକ୍ଷ ଶାଖାରେ ଶାୟିତ ଥିବା ଜାଣିପାରି, ସକାଳେ କଳ୍ପାରମ୍ଭ ଓ ସନ୍ଧ୍ୟାବେଳେ ବିଲ୍ଵବୃକ୍ଷମୂଳେ ଆରମ୍ଭ କଲେ ଦେବୀଙ୍କ୍ ବୋଧନ । ଏହାପରେ ସପ୍ତମୀ ତିଥିରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ । ସେତେବେଳେ ମଧ୍ୟ ଦେବୀ ସୁପ୍ତ ଅବସ୍ଥା ରେ ଥିବାରୁ ଅଷ୍ଟମୀ ତିଥିରେ ଯୋଗିନୀଗଣଙ୍କୁ ଆହ୍ଵାନ କରି ଦେବୀଙ୍କୁ ପୁଣି ପୂଜା କଲେ । ଆଗତ ଯୋଗିନୀଗଣଙ୍କ କୋଳାହଳରେ ଦେବୀ କେବଳ କଡ଼ ଲେଉଟାଇ ପୁଣି ଶୋଇଲେ। ଏହାପରେ ଅଷ୍ଟମୀ ର ଶେଷ ଓ ନବମୀର ଆରମ୍ଭ ବା ସନ୍ଧି କ୍ଷଣ ସମୟରେ ଶ୍ରୀରାମଚନ୍ଦ୍ର କଲେ ସନ୍ଧିପୂଜା । ଅଷ୍ଟମୀର ଚବିଶ ମିନଟ ଓ ନବମୀର ଚବିଶ ମିନଟ, ଏହିପରି ମୋଟ ଅଠଚାଳିଶ ମିନଟ ଧରି ଦେବୀ ଚାମୁଣ୍ଡାଙ୍କର ଏହି ବିଶେଷ ସନ୍ଧିପୂଜା କରିଥିଲେ । ଶ୍ରୀରାମ ଚାମୁଣ୍ଡାଙ୍କୁ ଆବାହନ କରି ଦେବୀ ଦୁର୍ଗାଙ୍କୁ ଉଠାଇବା ପାଇଁ ନିବେଦନ କଲେ । ଚାମୁଣ୍ଡାଙ୍କ ସହଯୋଗ ଫଳରେ ନବମୀ ତିଥିରେ ଦେବୀ ଦୁର୍ଗା ଜାଗ୍ରତ ହେଲେ । ଏତିକିବେଳେ ସେ ଦେବୀଙ୍କୁ କୁମାରୀ ରୂପରେ ଦର୍ଶନ କରି ଯୋଗିନୀ ମାନଙ୍କ ସହିତ ବିଶେଷ ପୂଜା କରି ଏକାସାଙ୍ଗେ ଶହେଆଠ ନୀଳପଦ୍ମ ଅର୍ପଣ କରିଥିଲେ । ସେହି ଦିନଠାରୁ କୁମାରୀ ରୂପୀ ଦେବୀଙ୍କର ପୂଜାର ଆରମ୍ଭ ।

ଦଶହରା ପର୍ବ ବିଜୟ ର ପର୍ବ। ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗା ପୂଜାକୁ ବିଜୟାଦଶମୀ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣ ରେ ଏହାକୁ ଦଶହରା କୁହାଯାଇଛି। ଏହି ପର୍ବ ଆମ ସଂସ୍କୃତି ର ମିଳନର ପର୍ବ। ସର୍ଵପରି ଅନ୍ତର୍ଜାଗୃତି ର ପର୍ବ।

Comments are closed.