ଓଡ଼ିଶା ଉପରେ ରହିବ ନାହିଁ ବାତ୍ୟାର ବିଶେଷ ପ୍ରଭାବ: ଆଇଏମଡି ଡିଜି

ଭୁବନେଶ୍ୱର – ବାତ୍ୟା ନେଇ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ୱସ୍ତିମୂଳକ ଖବର। ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବାତ୍ୟା ସୃଷ୍ଟି ହେବା ନିଶ୍ଚିତ ହୋଇଥିଲେ ମଧ୍ୟ ଓଡ଼ିଶା ଉପରେ ଏହି ବାତ୍ୟାର ବିଶେଷ ପ୍ରଭାବ ପଡ଼ିବ ନାହିଁ। ଏହା ଓଡ଼ିଶା ଉପକୂଳ ସ୍ପର୍ଶ କରିବାର ସମ୍ଭାବନା ନାହିଁ। ଓଡ଼ିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡ଼କୁ ବାତ୍ୟା ମୁହାଁଇବ । ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଏ ନେଇ ଆଇଏମ୍‌ଡି ଡିଜି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ନିକଟସ୍ଥ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରେ ଏହି ଅବପାତ ସୃଷ୍ଟି ହେବ। ତାହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି ଜାରି ରଖିବ। ଏହା ୨୩ ତାରିଖ ବେଳକୁ ଗଭୀର ଅବପାତରେ ପରିଣତ ହେବ। ୨୪ ତାରିଖରେ ଏହା ଦିଗ ପରିବର୍ତ୍ତନ କରି ଉତ୍ତର ଆଡ଼କୁ ମୋଡ଼ ବଦଳାଇବ ଏବଂ ଏକ ଘୂର୍ଣ୍ଣିବାତ୍ୟାରେ ପରିଣତ ହେବ। ଏହା ପରେ ଉତ୍ତର-ଉତ୍ତର ପୂର୍ବ ଦିଗ ଆଡ଼କୁ ଗତି କରିବ।

ଆଇଏମଡି ଡିଜି କହିଛନ୍ତି, ଏହି ବାତ୍ୟା ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ନାହିଁ। ଓଡ଼ିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡ଼କୁ ମୁହାଁଇବ। ୨୫ ତାରିଖରେ ଏହା ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ନିକଟ ସମୁଦ୍ରରେ ପହଞ୍ଚିବ। ଏହାର ସବୁଠୁ ଅଧିକ ପ୍ରଭାବ ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପରେ ରହିପାରେ ବୋଲି ସେ କହିଛନ୍ତି।

Comments are closed.