ପଞ୍ଚୁକର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉମାନେ ଭକ୍ତଙ୍କୁ ଆଡ଼କିଆ ବେଶରେ ଦେବେ ଦର୍ଶନ

କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ଉକ୍ତଦିନ ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି ।

ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ । କଥିତ ଅଛି ତ୍ରିବିକ୍ରମ ବା ଆଡକିଆ ବେଶ ଅତିବଡୀ ସମ୍ପ୍ରଦାୟର ଅତ୍ୟନ୍ତ ପ୍ରିୟ ଅଟେ। ପଞ୍ଚସଖାବାଦୀ ତଥା ଅତିବଡୀ ସମ୍ପ୍ରଦାୟର ବହୁ ସଂଖ୍ୟକ ଶିଷ୍ୟ -ଭକ୍ତ ତଥା ମହନ୍ତମାନେ ଏହି ମନୋରମ ବେଶ ଦର୍ଶନକରି ନିଜକୁ ସୌଭାଗ୍ୟ ମଣିଥାନ୍ତି ।

ଆଡ଼କିଆ ବା ଠିଆକିଆ ବେଶ ମଧ୍ୟରେ ପ୍ରଭେଦ ଏହି କି ଯେ , ଠିଆକିଆ ବେଶରେ ସୁନାକିଆ ଲମ୍ବ ଭାବରେ ଖୋସା ନଯାଇ ଆଡ଼ବାଗରେ ଖୋସା ଯାଏ ଏବଂ ଡାଳିକିଆ ବେଶରେ ସୋଲର ଡାଳପତ୍ରରେ ସୁନାର କିଆପତ୍ର ଖଞ୍ଜାଯାଏ । ଏହି ସୁନାକିଆ ଗୁଡିକ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କ ମସ୍ତକରେ ପିନ୍ଧାଯାଇଥିବା ସୋଲ, କନା, ବେତ , ଜମ୍ବୁରା, କଇଁଥ ଅଠାରେ ନିର୍ମିତ ଚୂଳରେ ଖୋସା ଯାଏ।ଚୂଳର ଶେଷରେ ଲଗାଯାଏ ସୁନାର ଚନ୍ଦ୍ରିକା । ସୁଭଦ୍ରାଙ୍କୁ ମଧ୍ୟ ଏହି ବେଶରେ ଗୋଟିଏ ସୁନା ଚନ୍ଦ୍ରିକାଦ୍ୱାରା ଶୋଭିତ କରାଯାଏ । ମାତ୍ର ତାଙ୍କ ମସ୍ତକରେ ଚୂଳ ଲାଗି କରା ନଯାଇ ସୁନା କିରୀଟ ଲଗାଯାଏ । ସବୁ ଠାକୁରମାନଙ୍କର ମୂଖର ଉପର ପାର୍ଶ୍ୱରେ ଦୁଇଟି ଲେଖାଏଁ କାଡ଼କାନି ଲଗାଯାଇ ଥାଏ । ଏହି ବେଶରେ ଘାଗଡା ମାଳି , ବରକୋଳି ମାଳି , ପଦ୍ମମାଳି,ଗିନିମାଳି, ପଦକ ମାଳି ପିନ୍ଧା ଯାଏ । ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର , ମାଳି,ଶ୍ରୀପୟର ,ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଜଗନ୍ନାଥ, ବଳଭଦ୍ରଙ୍କୁ ଲୁଗାକଛା ମାରି ପିନ୍ଧାଇ ଦିଆଯାଏ ।

ମହନ୍ତ ମହାରାଜ ରାମ ଜୟନ୍ତୀ ଦାସଙ୍କଦ୍ୱାରା ଏହି ବେଶର ପ୍ରଚଳନ ହୋଇଥିଲା । ଏହି ବେଶରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।

Comments are closed.