ପ୍ରଖର ଗ୍ରୀଷ୍ମ ପ୍ରବାହ: ଆଜି ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ | News Room Odisha

ପ୍ରଖର ଗ୍ରୀଷ୍ମ ପ୍ରବାହ: ଆଜି ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର – ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ରାଜ୍ୟରେ ଆଜିଠୁ ଆହୁରି ବଢିବ ତାତି । ଆଜି ୪ଟି ଜିଲ୍ଲା -ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ୮ଟି ଜିଲ୍ଲା ଏବଂ ୧୫ ତାରିଖରେ ୯ ଜିଲ୍ଲାକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ।

ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଦିନ ତାପମାତ୍ରା ୪୦ ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ଯାଇପାରେ । ଉପକୂଳ ଓଡ଼ିଶାରେ ଖୋର୍ଦ୍ଧା, ପୁରୀ, ନୟାଗଡ, ଜଗତସିଂହପୁର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବା ସମ୍ଭାବନା ରହିଛି । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରିଛି ପାଣିପାଗ କେନ୍ଦ୍ର । ଏହି ସମୟରେ ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।

ମେଘମୁକ୍ତ ଆକାଶ, ପ୍ରଖର ସୂର୍ଯ୍ୟ କିରଣ, ବାୟୁମଣ୍ଡଳରେ ଜଳୀୟବାଷ୍ପ ପରିମାଣ ହ୍ରାସ ଏବଂ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବାହିତ ହେଉଥିବା ଗରମ ଶୁଷ୍କ ପବନ ପାଇଁ ଏଭଳି ସ୍ଥିତି ସୃଷ୍ଟି ହୋଇଛି । ଗତକାଲି ଝାରସୁଗୁଡା ବିଶ୍ବର ପଞ୍ଚମ ଉତ୍ତପ୍ତ ସହର ହୋଇଥିଲା ।

ଆସନ୍ତା ୧୬ ତାରିଖରେ ପାଗରେ ପରିବର୍ତ୍ତନ ହେବା ସହ ରାଜ୍ୟର କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରୁ ରାଜ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେବ ।ଏହାର ପ୍ରଭାବରେ ଉତ୍ତର ଉପକୂଳ ସହ ଖୋର୍ଦ୍ଧା,ନୟାଗଡା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।