କୃଷି ଦିବସରେ ଅକ୍ଷି ମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, ମିଲେଟ ଶକ୍ତି କାଫେ ଓ କୃଷି ସମୀକ୍ଷା କେନ୍ଦ୍ରର କଲେ ଉଦଘାଟନ | News Room Odisha

କୃଷି ଦିବସରେ ଅକ୍ଷି ମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, ମିଲେଟ ଶକ୍ତି କାଫେ ଓ କୃଷି ସମୀକ୍ଷା କେନ୍ଦ୍ରର କଲେ ଉଦଘାଟନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଯାଇ ସେଠାରେ ଅକ୍ଷୀ ମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇ ଥିଲେ।

ଏହାପରେ ସେ ଲୋକ ସେବା ଭବନ ଆସି ସେଠାରେ ମିଲଟ ଶକ୍ତି କାଫେ ଲୋକାର୍ପିତ କରିଥିଲେ। ପୁଷ୍ଟି ହୀନତା ନିୟନ୍ତ୍ରଣରେ ମାଣ୍ଡିଆ ଓ ଅନ୍ୟାନ୍ୟ ମିଲେଟ୍ ଖାଦ୍ୟ ଶସ୍ୟ ର ଗୁରୁତ୍ଵ ଅନୁଭବ କରି ରାଜ୍ୟ ସରକାର ମିଲେଟ୍ ମିଶନ କାର୍ଯ୍ୟକାରୀ କରିଛନ୍ତି। ରାଜ୍ୟରେ ବର୍ତମାନ ସୁଦ୍ଧା ୧୪୨ ଟି ମିଲେଟ୍ ଆଉଟ୍ ଲେଟ୍ ଖୋଲା ଯାଇ ସାରିଲାଣି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘କୃଷି ସମୀକ୍ଷା କେନ୍ଦ୍ର’ର ଉଦଘାଟନ ମଧ୍ୟ କରିଥଲେ। ରାଜ୍ୟ କୃଷି ଭବନରେ ଏହି କେନ୍ଦ୍ର ଏକ ‘ ସେଣ୍ଟ୍ରାଲ କମାଣ୍ଡ ଏଵଂ କଣ୍ଟ୍ରୋଲ ସିଷ୍ଟମ ‘ ଭାବେ କାର୍ଯ୍ୟ କରିବ। କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ର ସ୍ତରରୁ ବିଭିନ୍ନ ସୂଚନା ବାସ୍ତବ ସମୟରେ ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରି ପାରିବ। ବିଭିନ୍ନ ଯୋଜନାର ସଫଳ ରୂପାୟନରେ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ରାଜ୍ୟ ସରକାରଙ୍କ ୫ ଟି ଆଭିମୁଖ୍ୟରେ ଏହି କେନ୍ଦ୍ର ସ୍ଥାପନ କରା ଯାଇଛି। କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ମୁଖ୍ୟ ମନ୍ତ୍ରୀଙ୍କୁ ଏହି କେନ୍ଦ୍ରର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।

ଏହା ସହିତ ଲୋକ ସେବା ଭବନ ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ଶିଶୁ ସନ୍ତାନ ମାନଂକ ପାଇଁ ଏକ ‘କଳିକା’ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିଲେ। ଏଥିରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କର ଯାଇଛି।

ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ ଓ ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।