ଦେବସ୍ନାନ ପୂର୍ଣ୍ଣିମା, ଆଜି ବିଶ୍ୱନିୟନ୍ତା ମହାପ୍ରଭୁଙ୍କ ଜନ୍ମଦିନ 

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କର ଜନ୍ମତିଥି। ଏହି ପବିତ୍ର ସ୍ନାନ ପୂର୍ଣ୍ଣମାରେ ସ୍ନାନମଣ୍ଡପରେ ଶ୍ରୀଜୀଉମାନଙ୍କ ସ୍ନାନ ପରେ ପରେ ଗଜାନନ ବେଶରେ ଭକ୍ତମାନଙ୍କ ଦର୍ଶନ ଦେବେ ଶ୍ରୀଜୀଉ। ସାଧାରଣତଃ, ବର୍ଷରେ ଥରୁଟିଏ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଶ୍ରୀଜଗନ୍ନାଥ ଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇ ଥାଏ ।

ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମି ଉପରେ ଆଧାରିତ । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇ ଥିବାରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି ଏହାକୁ କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ମହାରାଜା ଇନ୍ଦ୍ରଦ୍ୟୁମ ପ୍ରଥମେ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି । ଶାସ୍ତ୍ରମତରେ, ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା ।

ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି । ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟେଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟେଷ୍ଠ ମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ ।

ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ସାଧାରଣ ଦିନ ପରି ଶ୍ରୀମନ୍ଦିରରେ କବାଟ ଫିଟା, ପାହାନ୍ତିଆ ଅବକାଶ, ଗୋପାଳ ବଲ୍ଲଭ, ସକାଳଧୂପ, ଦ୍ଵିପ୍ରହର ଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ଵଳ୍ପସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ । ଏହିଦିନ କୋଠ ସିଆଁସିଆ ମନ୍ଦିରରେ ପ୍ରବେଶ କରନ୍ତି ଓ ପହଣ୍ଡି ପାଇଁ ଚାରମାଳ ବାନ୍ଧନ୍ତି l ପ୍ରଭୁଙ୍କର ସେନାପଟା ଓ ବାହୁଟିନାଗି ହୁଏ ।

ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ (ବ୍ରାହ୍ମଣ ଗୋଷ୍ଠୀର ସେବକ) ବିଜେ କରାଇଥାନ୍ତି । ପହଣ୍ଡି ବିଜେ ସମୟରେ ସାତ ପାହଚ ଉପରେ ଠାକୁରମାନେ ଚୂଳ ଓ ଟାହିଆ ଲାଗି ହୁଅନ୍ତି । ଏହି ସାତପାହଚ ଉପରେ ଟାହିଆ ନାଗି ହେବାପରେ ଦ୍ଵିତୀୟ ମଙ୍ଗଳାର୍ପଣ ହୁଏ । ତା ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ନାଗି କରାଯାଏ । ତା ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦି କୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତି l ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି l ଗରାବଡୁ ସୁବର୍ଣ୍ଣକଳସ ଧରି ଶୀତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ଵର୍ଣ୍ଣକୂପରୁ ଜଳ ଆଣନ୍ତି । ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥିବାରୁ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ ।

ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ, ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ଵାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ l

ଏହି ଜଳରୁ ୩୫ ଗରା ଶ୍ରୀଜଗନ୍ନାଥଙ୍କୁ, ୩୩ ଗରା ଶ୍ରୀବଳଭଦ୍ରଙ୍କୁ, ୨୨ ଗରା ମା’ ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି । ମହାପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ । ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳ ତୀର୍ଥ ମଠଦ୍ଵାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ସୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ ।

ତା’ପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଓ ପଟିମୂର୍ତି ସ୍ଥାପନା କରାଯାଏ । ତାପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମା ଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦିର୍ଘ ୧୫ ଦିନ ଧରି ଜ୍ଵରରେ ପଡ଼ନ୍ତି । ଏହାକୁ ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି ।

Comments are closed.