ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଗଜାନନ ବେଶ ନୀତି ଅନୁଷ୍ଠିତ

ଦେବସ୍ନାନ ପୂର୍ଣ୍ଣିମା ଅଵସରରେ ଶ୍ରୀମନ୍ଦିରରେ ଆଜି ଗଜାନନ ବେଶ ନୀତି ଅନୁଷ୍ଠିତହୋଇଥିଲା। ପରମ୍ପରା ଅନୁଯାୟୀ ସ୍ନାନ ମଣ୍ଡପରେ ବିରାଜିତ ଶ୍ରୀଜୀଉମାନଙ୍କର ସ୍ନାନନୀତି ପରେ ଗୋପାଳ ତୀର୍ଥ ମଠ ଓ ରାଘବ ଦାସ ମଠରୁ ଆସିଥିବା ଗଜାନନ ବେଶ ଉପକରଣ ଯଥାକ୍ରମେ ବଳଭଦ୍ର, ଜଗନ୍ନାଥ, ସୁଭଦ୍ରା, ସୁଦର୍ଶନଙ୍କୁ ଲାଗି କରାଯାଇ ଥିଲା । ଗଜାନନ ବେଶ ସମ୍ପର୍କରେ ଶ୍ରୀମନ୍ଦିର ସ୍ୱତ୍ୱଲିପିରେ ଉଲ୍ଲେଖ ଅଛି ଯେ, ସ୍ନାନ ମଣ୍ଡପରେ ଶ୍ରୀବିଗ୍ରହମାନଙ୍କର ଜଳଲାଗି ନୀତି ବଢିବା ପରେ ଲେଙ୍କା ଓ ଘଣ୍ଟ କାହାଳୀ ସହ ଗୋପାଳତୀର୍ଥ ମଠ ରୁ ବଡ଼ବାଡ଼ (ବଳଭଦ୍ରଙ୍କ ବାଡ଼) ଓ ଶ୍ରୀସୁଦର୍ଶନଙ୍କର ଗଜାନନ ବେଶ ଉପକରଣମାନ ଆଣିବାକୁ ଯାଇଥିଲେ । ଏହାପରେ ଗଜପତି ମହାରାଜା ସ୍ନାନବେଦୀକୁ ଆସି ତିନି ବାଡ଼ରେ ରାଜ ନୀତି ସମ୍ପର୍ଣ୍ଣ କରିଥିଲେ। ରାଜ ନୀତି ବଢିବା ପରେ ସ୍ନାନ ମଣ୍ଡପରେ ଛେରା ପହଁରା ହୋଇଥିଲା । ତତ୍ପରେ ସୁଆରବଡୁ ସେବକ ପାଣି ପକାନ୍ତି । ପାଣି ପଡ଼ିଲା ପରେ ଜଗମୋହନରେ ଥିବା ବଡ଼ବାଡ଼ର (ବଳଭଦ୍ର) ବେଶ ଉପକରଣ ଓ ରାଘବ ଦାସ ମଠରୁ ଆସିଥିବା ଅନ୍ୟ ଦୁଇ ବାଡ଼ (ଜଗନ୍ନାଥ, ସୁଭଦ୍ରା)ର ବେଶ ଉପକରଣମାନ ସ୍ନାନ ମଣ୍ଡପରେ ଆଣି ରଖାଯାଇଥିଲା। ଭିତରଚ୍ଛ,ଚଳିଚ୍ଛ, ପୁଷ୍ପାଳକ,ଖୁଣ୍ଟିଆ, ଦଇତାପତିମାନଙ୍କ ସହ ତିନି ବାଡ଼ରେ ଶ୍ରୀଜୀଉ ମାନଙ୍କୁ ହାତୀବେଶ କରିଥିଲେ ।

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ହାତୀ ବେଶ ବା ଗଜାନନ ବେଶ ସମ୍ପର୍କରେ ରହିଥିବା କିମ୍ବଦନ୍ତୀ ଅନୁଯାୟୀ ପଞ୍ଚଦଶ ଶତାବ୍ଦୀରେ ମହାରାଷ୍ଟ୍ରରୁ ମହାଗାଣପତ୍ୟ ସମ୍ପ୍ରଦାୟର ଶ୍ରୀ ଗଣପତି ଭଟ୍ଟ ନାମକ ଜନୈକ ବ୍ରାହ୍ମଣ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ସେ ପ୍ରଭୁ ଗଣେଶଙ୍କ ବଡ଼ ଭକ୍ତ ଥିଲେ । ସ୍ନାନ ପୂର୍ଣ୍ଣିମୀ ଦିନ ଶ୍ରୀମନ୍ଦିରରୁ ପ୍ରବେଶ କରି ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରି ଗଣପତି ଭଟ୍ଟ ସନ୍ତୋଷ ଲାଭ କଲେ ନାହିଁ । ତେଣୁ ନିରାଶ ମନରେ ଶ୍ରୀକ୍ଷେତ୍ରରୁ କିଛି ବାଟ ଯିବା ପରେ ମୁକ୍ତେଶ୍ୱରଠାରେ ଶୂନ୍ୟବାଣୀ ଶୁଣି ପୁନଶ୍ଚ ଶ୍ରୀମନ୍ଦିରକୁ ଫେରିଆସି ଦେଖନ୍ତି ଯେ, ଠାକୁରମାନେ ତାଙ୍କର ଇଷ୍ଟ ଗଣପତି ରୂପ ଧାରଣ କରି ଧବଳ ରୂପରେ ବଳଭଦ୍ର ଓ କଳା ରୂପରେ ଜଗନ୍ନାଥ ଶୋଭା ପାଉଛନ୍ତି । ଗଣପତି ଭଟ୍ଟ ଏହି ଦୃଶ୍ୟ ଦେଖି ଭକ୍ତି ବିଭୋର ହୋଇପଡ଼ିଲେ ଓ ତତ୍‌କ୍ଷଣାତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚରଣାବିନ୍ଦରେ ସାଷ୍ଟାଙ୍ଗ ପ୍ରଣିପାତ ପୂର୍ବକ ପ୍ରାର୍ଥନା କରିଥିଲେ । ଗଣପତି ଭଟ୍ଟଙ୍କ ଗଣପତି ବେଶ ଦର୍ଶନର ସ୍ମାରକୀ ସ୍ୱରୂପ ଏହି ବେଶ ହୋଇ ଆସୁଛି ।

ଏହି ହାତୀବେଶ ବଢିବା ପରେ ତିନି ବାଡ଼ରେ କର୍ପୂର ଲାଗି ହୋଇଥିଲା ଏବଂ ପରେ ପରେ ସ୍ନାନ ବେଦୀ ଉପରେ ଶୋଧ କରାଯାଇ ଭୋଗ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା ।

ସୂଚନାଯୋଗ୍ୟ ଯେ ଏହି ଦିନ ମାତ୍ର ଗୋଟିଏ ଭୋଗ ହୋଇଥାଏ । ଭୋଗ ଶେଷ ପରେ ସ୍ନାନ ବେଦୀ ଉପରକୁ ସର୍ବ ସାଧାରଣଙ୍କୁ ଦର୍ଶନ ନିମିତ୍ତ ଅନୁମତି ଦିଆଯାଏ । ଚଳିତ ବର୍ଷ ସାମାନ୍ୟ କିଛି ଅସୁବିଧା ସତ୍ତ୍ୱେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଶୃଙ୍ଖଳା ର ସହିତ ସମ୍ପର୍ଣ୍ଣ ହୋଇଛି।

Comments are closed.