ଓଡ଼ିଶାର ଗଣପର୍ବ ରଜ | News Room Odisha

ଓଡ଼ିଶାର ଗଣପର୍ବ ରଜ

ଓଡ଼ିଶାର ଗଣପର୍ବ ରଜ । ଏହା ରାଜ୍ୟର ଏକ ପାରମ୍ପରିକ ପର୍ବ ହୋଇଥିବା ବେଳେ ଏହାକୁ ଚାରିଦିନ ଧରି ପାଳନ କରାଯାଇଥାଏ। ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିନ ବସୁମତୀ ସ୍ନାନ ଭାବେ ପାଳନ ହୁଏ।

ରଜ ୩ ଦିନ ଝିଅମାନେ କାମ କରନ୍ତି ନାହିଁ। ବିଶ୍ୱାସ କରାଯାଏ ଯେ, ପୃଥିବୀ ମାତା ବର୍ଷାର ଆଗମନରେ ରଜସ୍ୱଳା ହୁଏ ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରେ। ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି। ମାଟି ଓ ମୌସୁମୀର ମିଳନର ପର୍ବ ରଜ। ରଜରେ ପୋଡ଼ ପିଠା ଓ ପାନଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ୍, ବାଗୁଡ଼ି ଆଦି ଖେଳି ସହିତ ଏହା ପାଳନ କରାଯାଏ। ଗାଁମାନଙ୍କରେ ଧୁମଧାମରେ ପାଳନ କରାଯାଏ ଏହି ପର୍ବ।

ବିଶ୍ୱାସ କରାଯାଏ ଯେ, ରଜ ପର୍ବରେ ଠାକୁରାଣିଙ୍କର ଋତୁସ୍ରାବ ହୋଇଥାଏ । ତେଣୁ ରଜ ୩ ଦିନ ଝିଅମାନେ କାମ କରନ୍ତି ନାହିଁ।

କାହିଁକି ପାଳନ କରାଯାଏ ରଜ ପର୍ବ?

ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ। ତିନିଦିନ ଧରି ଧରଣୀ ମାଆକୁ ବିଶ୍ରାମ ଦିଆଯାଏ, ଯେଉଁଥିପାଇଁ ଭୂଖନନ ବାରଣ କରାଯାଏ। ଆଷାଢ଼ର ପହିଲି ବର୍ଷାରେ ମାଟି ମା’ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ। ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ।

ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ। ଏହି ରଜ ପର୍ବ ପାଳନ ଅବସରରେ ଜଣେ ନାରୀଭାବେ ଆଗାମୀ ଦିନରେ କିଛି କର୍ତ୍ତବ୍ୟ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ। କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାର ସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀ ଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାର ସଂହିତା ତାକୁ ସହାଯ୍ୟ କରେ।

ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାଆକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲା ଭଳି କୁମାରୀମାନେ ବିଶ୍ରାମ କରନ୍ତି। ଝିଅ ଓ ଘର ବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜ ପର୍ବର ପାଳନ କରାଯାଏ। ରଜ ପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାଆର କର୍ତ୍ତବ୍ୟକୁ ସୂଚାରୁ ରୂପେ ତୁଲାଇ ପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ନିଜ ଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ।

କିପରି ପାଳନ କରାଯାଏ ରଜ ପର୍ବ

ଏହି ପର୍ବ ପାଳନ ବେଳରେ ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳ ଖେଳି ଦିନକୁ କାଟନ୍ତି। ଅବିବାହିତ ଝିଅମାନେ ଶାଢ଼ୀ ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି। ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି। ପତ୍ର ଓ ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି। ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ।

ସେହିପରି ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ। ଏହା ବସୁଧା ମାତାଙ୍କ ସ୍ନାନ। ପ୍ରାପ୍ତ ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ବସୁମାତାଙ୍କ ସ୍ୱରୂପକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବ ଡାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ। ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥାନ୍ତି।