ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଜ୍ୱର ଉପଶମ ପାଇଁ ଲାଗି ହୋଇଥାଏ ଦଶମୂଳ ମୋଦକ | News Room Odisha

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଜ୍ୱର ଉପଶମ ପାଇଁ ଲାଗି ହୋଇଥାଏ ଦଶମୂଳ ମୋଦକ

ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ଶ୍ରୀଜୀଉ ଙ୍କ ନିମନ୍ତେ ଦଶମୂଳମୋଦକ ପ୍ରସ୍ତୁତ ହୋଇଥାଏ। ଏହା ଏକାଦଶୀ ଦିନ ଶ୍ରୀଜୀଉଙ୍କ ପାଖେ ସମର୍ପଣ ହେବାର ଵିଧି ପରମ୍ପରା ରହିଛି।ଶ୍ରୀମନ୍ଦିରର ରାଜ ବୈଦ୍ୟ ସେବକମାନେ ପୁରୁଷାନୁକ୍ରମେ ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି।

ଏହି ମହୌଷଧି ପ୍ରସ୍ତୁତି ନିମନ୍ତେ ଶାଳପନ୍ନି, ଗମ୍ଭାରୀ , ଫଣଫଣା , କୃଷ୍ଣ ପନ୍ନି , ଅଗବଥି , ବେଲ , ଅଙ୍କରାନ୍ତି , ଗୋଖରା ,ଲବିଂ କୋଳି , ନବାଙ୍କୁରୀ କୁ ପ୍ରଥମେ ଶୁଖା ଯାଇ ପରେ ଏହାକୁ କୁଟା ଯାଇ ଗୁଣ୍ଡ କରାଯାଇଥାଏ । ଏହି ଗୁଣ୍ଡକୁ ଗାମୁଛାରେ ଛାଣି ନୂତନ କାଠ ଚୁଲିରେ କଡେଇ ବସାଯାଇ ଖୁଆ , ଶର୍କରା , ସର , ମହୁ , ଘିଅ , ଭାଙ୍ଗ ଆଦି ପକାଯାଇ ଏହାକୁ ପାଗ କରାଯାଏ। ପାଗ ପରେ ଏହାକୁ କଦଳୀ ପତ୍ର ଉପରେ ରଖି ଥଣ୍ଡା କରାଯାଇଥାଏ। ଥଣ୍ଡା ହେଲା ପରେ ଏହାକୁ ଗୋଲାକାର ମୋଦକ କରି ୩ଟି କୁଡୁଆ ରେ ରଖା ଯାଇଥାଏ। ଏହା ଉପରେ କର୍ପୂର ଦେଇ ତାଳପତ୍ର ଭୋଗେଇରେ ରଖି ଶ୍ରୀମନ୍ଦିର ଗାରଦ ରେ ଦାଖଲ କରାଯାଇଥାଏ।

ନୀଳାଦ୍ରି ମହୋଦୟ ଶାସ୍ତ୍ରରେ ମହାପ୍ରଭୁଙ୍କ ଅଣସରକାଳୀନ ଗୋପନ ସେବା ସଂପର୍କରେ ରହିଥିବା ମାର୍ଗଦର୍ଶନ ମୁତାବକ, ବିଶ୍ୱାବସୁ ତଥା ବିଦ୍ୟାପତି ବଂଶଧାରମାନେ ଶ୍ରୀଅଙ୍ଗ ସେବାରେ ଲାଗିବେ । ଏହି ସେବା ପାଇଁ ବିଭିନ୍ନ ପ୍ରକାରର ଚେରମୂଳିରୁ ପ୍ରସ୍ତୁତ ଔଷଧ ପ୍ରସ୍ତୁତ କରାଯାଇଛି । ସେଥିମଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ବଡଓଡିଆ ମଠରୁ ଆସିଥିବା ଫୁଲୁରି ତେଲ ଓ ଶୁଦ୍ଧସୁଆର ସେବକମାନେ ଯୋଗାଇଥିବା ଓଷୁଅ ବା ଖଳି ।

ଆର୍ୟୁବେଦ ଶାସ୍ତ୍ର ଉପରେ ଭରସା କରନ୍ତି ମହାପ୍ରଭୁ କାରଣ :-
ସ୍ନାନ ପୂର୍ଣ୍ଣମୀ ଦିନ ସର୍ବାଙ୍ଗ ସ୍ନାନ ପରେ ଅସୁସ୍ଥ ହୋଇ ପଡିଥିବା ମହାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ କରିବା ଲାଗି ଦଶମୂଳ ମହୌଷଧି ଲାଗି କରାଯାଏ । ପବିତ୍ର ଏକାଦଶୀ ତିଥି ଅବସରରେ ବିଳମ୍ୱିତ ରାତିରେ ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ କ୍ରମେ ପତି ମହାପାତ୍ର ସେବକ ଏହାକୁ ଲାଗି କରିବେ ।

ଏହି ମହୌଷଧି ଶ୍ରୀ ଅଙ୍ଗରେ ଉପଚାର କରାଯିବା ପରେ ଜ୍ୱରରେ କମ୍ପୁଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ଏଥିସହିତ ମହାପ୍ରଭୁଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ନୀତି ମଧ୍ୟ ଅନୁଷ୍ଠିତ ହେବ । ଶ୍ରୀଜୀଉମାନେ ରକ୍ତବସ୍ତ୍ର ପରିଧାନ କରିବେ ଓ ମହାପ୍ରଭୁଙ୍କୁ ତୁଳସୀ ଲାଗି ହେବେ ।