ଶ୍ରୀମନ୍ଦିରରେ ପାରମ୍ପରିକ ରୀତିରେ ପାଳିତ ହୋଇଯାଇଛି ଚିତାଲାଗି ଅମାବାସ୍ୟା

ଶ୍ରୀମନ୍ଦିରରେ ପାଳିତ ଅନେକ ଯାତ୍ରା , ଉପଯାତ୍ରା ତଥା ଉତ୍ସବାଦି ଓ ତ୍ରୟୋଦଶ ଯାତ୍ରା ବ୍ୟତୀତ ୫୦ରୁ ଉର୍ଦ୍ଧ ଉପଯାତ୍ରା , ଉତ୍ସବାଦି ମଧ୍ୟରେ ଚିତାଲାଗି ଅମାବାସ୍ୟା ଅନ୍ୟତମ ଅଟେ ।

ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ରେ ଚିତା ଲାଗି ଅମାବାସ୍ୟା ନୀତି ପାଳିତ ହୋଇଥିଲା। ଏହି ଦିନ ମହାପ୍ରଭୁଙ୍କ ସ୍ଵର୍ଣଚିତା ଲାଗି ହୋଇଥିଲେ।

ଗତକାଲି ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନସିଂହାସନ ରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିଥିଲେ। ଏହାପରେ ଶ୍ରୀଜୀଉମାନଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ଏହି ଦିନ ସାଗର ବିଜେ କରିଥିବା ଅମାବାସ୍ୟା ଠାକୁର ଶ୍ରୀମନ୍ଦିର କୁ ବାହୁଡା ବିଜେ କରିବା ପରେ ପତି ମହାପାତ୍ର,ବାଡ଼ ଗ୍ରାହୀ ଦଇତାମାନେ ରତ୍ନସିଂହାସନାଧିଷ୍ଠିତଶ୍ରୀଜୀଉ ଙ୍କର ଚିତାଲାଗି କାର୍ଯ୍ୟ ଆରମ୍ଭ କରିଥିଲେ।ତିନୋ ଟି ସ୍ବର୍ଣ୍ଣ ଚିତା ଶ୍ରୀଜୀଉମାନଙ୍କ କପାଳର ଶୀର୍ଷ ଭାଗରେ ଓଷୁଅ ରେ ପାଟ ଡୋର ସାହାଯ୍ୟରେ ଏହାକୁ ଦୃଢ଼ ଭାବରେ ବନ୍ଧା ଯାଇଥିଲା।

ସୂଚନାଯୋଗ୍ୟ ଯେ ଏହି ରତ୍ନଖଚିତ ସ୍ବର୍ଣ୍ଣ ଚିତା କୁ ପୂର୍ବରୁ ଅର୍ଥାତ ସ୍ନାନପୂର୍ଣ୍ଣିମା ଦିନ ରାତ୍ରିରେ ଶ୍ରୀଜୀଉ ମାନଙ୍କ ଶ୍ରୀକପାଳ ଦେଶରୁ ଓଲାଗି କରା ଯାଇଥାଏ। ଏହି ଚିତାକୁ ଭଣ୍ଡାରରୁ ଅଣାଯାଇ ଶ୍ରୀମନ୍ଦିର ପରିସରରେ ଦେଉଳକରଣ , ତଢ଼ାଉ କରଣ , ଶ୍ରୀମନ୍ଦିର ପ୍ରଶାସନ ର ପଦାଧିକାରୀ ଉପସ୍ଥିତି ରେ ବଣିଆ ସେବକ ଦ୍ୱାରା ସଫା କରା ଯାଇଥାଏ ଓ ପୁନଃ ସଂସ୍ଥାପିତ ହୋଇଥାଏ। ଚିତାଲାଗି ନୀତି ଗୋପନୀୟ ହୋଇଥିବାରୁ ଏହି ସମୟରେ ଭକ୍ତ ଙ୍କୁ ଭିତରକାଠ ମଧ୍ୟକୁ ପ୍ରବେଶ କରିବାକୁ ବାରଣ କରାଯାଇଥିଲା।

ବଡ଼ଠାକୁର ଶ୍ରୀବଳଭଦ୍ର ଙ୍କ ସ୍ୱର୍ଣ୍ଣ ଚିତା ମଝିରେ ଏକ ବଡ଼ ମର୍କତ ପଥର ରହିଛି । ଏହାର ଚାରି ପାର୍ଶ୍ୱରେ ପାଞ୍ଚୋଟି ବେଢ଼ରେ ଛୋଟ ଛୋଟ ମାଣିକ୍ୟ , ହୀରା , ମର୍କତ / ପାନ୍ନା ଏବଂ ନୀଳ ପଥର ଖଚିତ ହୋଇଛି।

ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ସ୍ଵର୍ଣ୍ଣଚିତା ମଝିରେ ହୀରା ରହିଛି । ଚିତାର ସାତୋଟି ବେଢ଼ ରେ ମାଣିକ୍ୟ , ହୀରା , ପାନ୍ନା ଏବଂ ଓପଲ ଖଞ୍ଜା ଯାଇଛି। ଶେଷ ଅର୍ଥାତ ସପ୍ତମ ବେଢ଼ରେ ଶୀର୍ଷରେ ବା ଚିତାର ଶୀର୍ଷରେ ପାନପତ୍ର ଅକୃତିର ଏକ ହୀରା ପଥର ରହିଛି । ଏହାକୁ ବ୍ରହ୍ମଜ୍ୟୋତି ହୀରା କୁହାଯାଏ।

ଦେବୀ ସୁଭଦ୍ରାଙ୍କ ଚିତା ମଝିରେ ଏକବଡ଼ ମାଣିକ୍ୟ ପଥର ରହିଛି। ଚିତାର ତିନୋଟି ବେଢ଼ରେ ପାନ୍ନା , ମର୍କତ , ହୀରା ଓ ମାଣିକ୍ୟ ରହିଛି।

ଏହି ତିନୋଟି ରତ୍ନଖଚିତ ସୁବର୍ଣ୍ଣ ଚିତାଗୁଡିକୁ ମର୍କତ ଚିତା , ହୀରଚିତା ଏବଂ ପାନ୍ନା ଚିତା କୁହାଯାଇଥାଏ। ଚିତା ଲାଗି ନୀତି ସମ୍ପର୍ଣ୍ଣ ହେଲା ପରେ ମହାସ୍ନାନ ବଢ଼ି ଅନ୍ୟାନ୍ୟ ନୀତି ବଢିଥିଲା। ଏହି ତୀଥିରେ କେତେକ ନିଯୋଗ ମାନଙ୍କ ପକ୍ଷରୁ ପରମ୍ପରା ଅନୁସାରେ ଆଳତି ଭୋଗ ମଧ୍ୟ ହୋଇ ଥିଲା। ଏଥିରେ ଛେନା ତାଡ଼ିଆ , ଫାଳ ସୋଲା ପ୍ରଭୃତି ଭୋଗ କରାଯାଇଥିଲା।

ଇତିହାସ ପୃଷ୍ଠା ରୁ ଜଣାଯାଏ କି ରକ୍ତବାହୁ ଆକ୍ରମଣ ସମୟରେ ଚତୁର୍ଦ୍ଧାମୂର୍ତ୍ତି ଙ୍କୁ ସୁବର୍ଣ୍ଣପୁର ରେ ପାତଳୀକରି ରଖା ଯାଇଥିଲା। ଆଦି ଶଙ୍କରାଚାର୍ଯ୍ୟ ଙ୍କ ତତ୍ୱାବଧାନରେ ଯଯାତିକେଶରୀ ଶ୍ରୀଜୀଉମାନଙ୍କୁ ସେଠାରୁ ଆଣି ଶ୍ରୀମନ୍ଦିର ରେ ରତ୍ନବେଦୀରେ ପଟାଅଭିଷେକ କରାଇଥିଲେ ଏବଂ ଏହି ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଥିଲେ । ସେହିଦିନ ଠାରୁ ଓଡ଼ିଶାର ପୁରପଲ୍ଲୀ ଶ୍ରାବଣ ମାସ ଅମାବାସ୍ୟା ଚିତାଲାଗି ଅମାବାସ୍ୟା ନାମରେ ପରିଚିତ ହୋଇଛି।

ଏହି ପବିତ୍ରନୀତି ପରେ ଅସଂଖ୍ୟ ଶ୍ରଦ୍ଧାଳୁ ଶ୍ରୀଜୀଉ ମାନଙ୍କୁ ଦର୍ଶନ କରିଥିଲେ। ଜନ ସମାଗମ କୁ ଦୃଷ୍ଟି ରେ ରଖି ଜିଲ୍ଲା ପ୍ରଶାସନ ତଥା ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।

Comments are closed.