ଆଜି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, କାଲି କଟକରେ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ

ଭୁବନେଶ୍ୱର – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ନୂଆଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ରାଜଭବନ ଯିବେ। ଆସନ୍ତାକାଲି ରାଷ୍ଟ୍ରପତି କଟକ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପ୍ରଥମେ ସେ ଚଣ୍ଡିମନ୍ଦିର ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ବାସଭବନ ଓ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ। ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ସମାରୋହ, ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି।

୨୭ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍ କମ୍ପ୍ଲେକ୍ସ ଶିଳାନ୍ୟାସ କରିବେ । ପରେ ସେ ଭଦ୍ରକ ଯାଇ ଭଦ୍ରକ ସ୍ୱୟଂଶାସିତ କଲେଜର ହୀରକ ଜୟନ୍ତୀ ସମାରୋହରେ ଯୋଗ ଦେବା ପରେ ଦିଲ୍ଲୀ ଫେରିଯିବେ।

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩୬ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବ। ରାଷ୍ଟ୍ରପତିଙ୍କ କାରକେଡ ଦାୟିତ୍ୱରେ ଏସପି ରାଙ୍କ ଅଧିକାରୀ ରହିବେ ବୋଲି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି।

Comments are closed.