ଲଘୁଚାପ ଦୁର୍ବଳ ସତ୍ତ୍ୱେ କାଲି ଯାଏଁ ବର୍ଷା | News Room Odisha

ଲଘୁଚାପ ଦୁର୍ବଳ ସତ୍ତ୍ୱେ କାଲି ଯାଏଁ ବର୍ଷା

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଯାଇଥିଲେ ମଧ୍ୟ ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୧୭.୪ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୧୦.୯ ମିମି ତୁଳନାରେ ୬୦ ପ୍ରତିଶତ ଅଧିକ ରହିଛି। ସେପ୍ଟେମ୍ୱର ୧ ତାରିଖରୁ ୬ ସେପ୍ଟେମ୍ୱର ମଧ୍ୟରେ ରାଜ୍ୟରେ ୬୬.୨ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୫୯.୪ ମିମି ତୁଳନାରେ ୧୧ ପ୍ରତିଶତ ଅଧିକ ରହିଛି।

ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଥିଲେ ହେଁ ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ୭ ତାରିଖରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଆସନ୍ତାକାଲି ବର୍ଷାର ପରିମାଣ କମିବା ସହ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।