୧୨ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା | News Room Odisha

୧୨ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ୱର – ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଗ ଶୁଖିଲା ରହିବ। ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ୧୧ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୨ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ।

ଆସନ୍ତା ୧୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।