ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ କେନ୍ଦୀଭୂତ ରହିଛି।
ଆଗାମୀ ଦୁଇ ଦିନ ଯାଏଁ ଓଡିଶା ଏବଂ ଛତିଶଗଡ ମଧ୍ୟରେ ଏହା ଗତିକରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆହୁରି ୨-୩ ଦିନ ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ରାଜ୍ୟରେ ଲଘୁଚାପ ପ୍ରଭାବରେ ଗତ ୧୨ ତାରିଖରୁ ବର୍ଷା ଜାରି ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ, ଆଜି ସମ୍ୱଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅନୁଗୋଳ, କଟକ, ନୟାଗଡ଼, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Comments are closed.