ଜାନୁଆରୀ ପହିଲାରେ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆସନ୍ତା ନୂଆବର୍ଷ ପହିଲାରେ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ । ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ନେଇ ଡିପିଆରକୁ ଅନୁମୋଦନ ପରେ ଗତକାଲି ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ୫ ହଜାର ୯୨୯ କୋଟି ଟଙ୍କାର ବିସ୍ତୃତ ପ୍ରକଳ୍ପ ରିପୋର୍ଟକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିସାରିଛନ୍ତି। ୫-ଟି ଉପକ୍ରମରେ ମେଟ୍ରୋ ରେଳ ପ୍ରକଳ୍ପର କାର୍ଯ୍ୟାନ୍ୱୟନ ହେବ । ଏଥିପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ । ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାର ୪୮ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ମେଟ୍ରୋ ରେଳ ପ୍ରକଳ୍ପ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରଠାରୁ କଟକର ତ୍ରିଶୂଳିଆ ଯାଏଁ ହେବ । ୨୬ କିଲୋମିଟର ଦୂରତା ମଧ୍ୟରେ ମୋଟ ୨୦ଟି ଷ୍ଟେସନ ରହିବ । ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପ ନିର୍ମାଣ ନେଇ ଘୋଷଣା କରିଥିଲେ।

Comments are closed.