ଆଜି ବାଲେଶ୍ଵର ଓ ବଲାଙ୍ଗୀର ଜିଲ୍ଲାରେ 'ଆମ ଓଡ଼ିଶା ନବୀନ ଓଡ଼ିଶା' ଯୋଜନା ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ  | News Room Odisha

ଆଜି ବାଲେଶ୍ଵର ଓ ବଲାଙ୍ଗୀର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର – ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଆଜି ବାଲେଶ୍ଵର ଓ ବଲାଙ୍ଗୀର ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇ ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଆରମ୍ଭ କରିବେ । ବାଲେଶ୍ଵର ଜିଲ୍ଲାରେ ୧୭୮ କୋଟି ଟଙ୍କା ବ୍ୟୟରେ ୪ ହଜାର ୪୬୫ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଆରମ୍ଭ କରାଯିବ । ବଲାଙ୍ଗୀର ଜିଲ୍ଲାରେ ୧୫୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୯୧୧ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଆରମ୍ଭ ହେବ ।

ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ।

ଗତ ୧୦ ତାରିଖରେ ରାଜ୍ୟ ସରକାରଙ୍କର ମହତ୍ତ୍ଵାକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଆରମ୍ଭ ହୋଇଛି। ପ୍ରଥମେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ ହୋଇଥିଲା । ପରେ ପୁରୀ, ନୟାଗଡ଼, ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼, କଟକ, କେନ୍ଦ୍ରାପଡା, ଖୋର୍ଦ୍ଧା, ଜଗତସିଂହପୁର, ରାୟଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଏହି ଯୋଜନା ଆରମ୍ଭ କରାଯାଇଛି ।

ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩ ହଜାର ୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନାରେ ରାଜ୍ୟର ୬ ହଜାର ୭୯୪ଟି ପଞ୍ଚାୟତ ସାମିଲ ହେବେ । ମୋଟ ୯୦ ହଜାର ୭୨୩ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ ।