ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପ୍ରସ୍ତୁତିର ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ : ପ୍ରତିବର୍ଷ ମାତୃଭାଷା ଦିବସ ସହ ଓଡିଆ ଭାଷା ସପ୍ତାହ ପାଳନ କରାଯିବ 

ଭୁବନେଶ୍ୱର – ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ  ତୃତୀୟ ଐତିହ୍ୟ କ୍ଯାବିନେଟ ନିଷ୍ପତ୍ତି ଅନୁଯାୟୀ ଆଗାମୀ ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵର ଜନତା ମଇଦାନଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ଆଜି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ ।     ସମ୍ମିଳନୀ ଉପଲକ୍ଷେ ପ୍ରସ୍ତୁତ କରାଯାଉଥିବା ‘ଅକ୍ଷର ଭୂମି’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ସମ୍ମିଳନୀର ପ୍ରଥମ ଦିନରେ ଲୋକାର୍ପଣ କରାଯିବ ।

ସମ୍ମିଳନୀ ଅବସରରେ ସମସ୍ତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଭାଷା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ । ଏହି ସମ୍ମିଳନୀରେ ଭାଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟ ବସ୍ତୁଗୁଡ଼ିକୁ ନେଇ ୧୬ଗୋଟି ସମ୍ପାନ ଆୟୋଜନ କରାଯିବ । ଏତଦବ୍ଯତୀତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସ୍ଵତନ୍ତ୍ର ସମ୍ପାନର ଆୟୋଜନ କରାଯିବ।

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଲୋକାର୍ପିତ ଲୋଗୋକୁ ଚୟନିତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କର ପ୍ରମୁଖ ସ୍ଥାନ/ କାନ୍ଥରେ ଚିତ୍ରଣ କରାଯିବ ।

ଏହି ଲୋଗୋକୁ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯିବା ସହିତ ସମସ୍ତ ସରକାରୀ ଗାଡ଼ିରେ ଷ୍ଟିକରିଂ କରାଯାଇ ସମ୍ମିଳନୀର ପ୍ରଚାର ପ୍ରସାର କରାଯିବ। ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ବିଷୟଭିତ୍ତିକ ସଙ୍ଗୀତ ମଧ୍ୟ ପ୍ରସ୍ତୁତ କରାଯିବ ।

ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମ ଗୁଡ଼ିକର ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ଉଭୟ ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମର ବ୍ଯବହାର କରାଯିବ । ଓଡ଼ିଶା ପରିବାର ତରଫରୁ ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆ ସଂଗଠନମାନଙ୍କୁ ଲାଇଭ ୱେବକାଷ୍ଟ ଦ୍ଵାରା ଯୋଡ଼ାଯାଇ ସମ୍ମିଳନୀର ଉଦଘାଟନ ଓ ଉଦଯାପନ ଉତ୍ସବରେ ବାସ୍ତବ ଓ ଆଭାସୀ ଉପସ୍ଥିତି ନିମନ୍ତେ ଉତ୍ସାହିତ କରାଯିବ ।

ଏଥିସହିତ ସେମାନଙ୍କର ମତାମତକୁ ବୈଦ୍ୟୁତିକ ଗଣମାଧ୍ୟମ ଓ ମୁଦ୍ରଣ ଗଣମାଧ୍ୟମରେ ପ୍ରକାଶ କରାଯିବା ସହିତ ମତାମତର କ୍ୟାଟଲଗ ମଧ୍ୟ ପ୍ରସ୍ତୁତ କରାଯିବ । ଏହି ସମ୍ମିଳନୀ ଉପଲକ୍ଷେ ସମ୍ମିଳନୀ ସମ୍ବନ୍ଧୀୟ ଆଲୋଚନା ଚକ୍ର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗୁଡ଼ିକୁ ତଥ୍ୟପୁସ୍ତିକା ମାଧ୍ୟମରେ ପ୍ରକାଶ କରାଯିବ ।

ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ କରାଯିବା ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ । ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ବିଭିନ୍ନ ନିଗମ କାର୍ଯ୍ଯାଳୟ/ ସରକାରୀ କାର୍ଯ୍ଯାଳୟ/ ବେସରକାରୀ କାର୍ଯ୍ଯାଳୟ/ ଅନୁଷ୍ଠାନମାନଙ୍କରେ ଓଡ଼ିଆ ଭାଷାର ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ/ସମ୍ବର୍ଦ୍ଧିତ କରାଯିବ । ରାଜ୍ୟ ବାହାରେ ବିଭିନ୍ନ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ।

ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଆ ଶିଖିବା ନିମିତ୍ତ ଉଭୟ ଡିଜିଟାଲ ଓ କଠିନ ପୁସ୍ତକ ଯୋଗାଇ ଦିଆଯିବ। ସେମାନଙ୍କୁ ସପ୍ତମ ଶ୍ରେଣୀ ସ୍ତରର ଓଡ଼ିଆ ଉତ୍ତୀର୍ଣ୍ଣ ପ୍ରମାଣପତ୍ର ପ୍ରଦାନ ନିମିତ୍ତ ଏକ ପରୀକ୍ଷା ପ୍ଲାଟଫର୍ମ ମଧ୍ୟ ଉପଲବ୍ଧ କରାଯିବ ।

ରାଜ୍ୟରେ ଶହେ ବର୍ଷରୁ ପୁରୁଣା ୧୦୯ଟି ପ୍ରାଥମିକ ବିଦ୍ୟାଳୟ ଏବଂ ୪୫ଟି ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ଭାବେ ଘୋଷଣା କରାଯିବା ସହ ଉକ୍ତ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ବରପୁତ୍ରମାନଙ୍କୁ ସମ୍ବର୍ଦ୍ଧନା କରାଯିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ଅବସରରେ ସମ୍ମିଳନୀ ସ୍ଥଳ ଏବଂ ଭୁବନେଶ୍ୱର ମହାନଗରକୁ ଆଲୋକମାଳାରେ ସୁସଜ୍ଜିତ କରାଯିବ ।

। ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ, ଅନ୍ୟାନ୍ୟ ବିଭାଗୀୟ ମୁଖ୍ୟ ଓ ବିଭିନ୍ନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକମାନେ ଉପସ୍ଥିତ ଥିଲେ ।

Comments are closed.