ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି । ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି । ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟୋଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ ।
ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ସାଧାରଣ ଦିନପରି ଶ୍ରୀମନ୍ଦିରରେ କବାଟଫିଟା, ପାହାନ୍ତିଆ ଅବକାଶ, ଗୋପାଳବଲ୍ଲଭ,ସକାଳଧୂପ, ଦ୍ୱିପ୍ରହରଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ୱଳ୍ପସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ । ଏହିଦିନ କୋଠ ସିଆଁସିଆ ମନ୍ଦିରରେ ପ୍ରବେଶ କରନ୍ତି ଓ ପହଣ୍ଡି ପାଇଁ ଚାରମାଳ ବାନ୍ଧନ୍ତି l ପ୍ରଭୁଙ୍କର ସେନାପଟା ଓ ବାହୁଟିନାଗି ହୁଏ । ରତ୍ନ ସିଂହାସନ ଉପରେ ମଙ୍ଗଳାର୍ପଣ କରାଯାଏ ।
ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ (ବ୍ରାହ୍ମଣ ଗୋଷ୍ଠୀର ସେବକ) ବିଜେ କରାଇଥାନ୍ତି । ପହଣ୍ଡି ବିଜେ ସମୟରେ ସାତ ପାହଚ ଉପରେ ଠାକୁରମାନେ ଚୂଳ ଓ ଟାହିଆ ଲାଗି ହୁଅନ୍ତି । ଏହି ସାତପାହଚ ଉପରେ ଟାହ୍ୟାନାଗି ହେବାପରେ ଦ୍ୱିତୀୟ ମଙ୍ଗଳାର୍ପଣ ହୁଏ । ତା ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ନାଗି କରାଯାଏ । ତା ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦିକୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତି । ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି । ଗରାବଡୁ ସୁବର୍ଣ୍ଣକଳସ ଧରି ଶିତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ୱର୍ଣ୍ଣକୂପରୁ ଜଳ ଆଣନ୍ତି । ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ୱାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ ।ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳତୀର୍ଥ ମଠଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ କରାଯାଇଥାଏ ।