ଆଜି ଜଗତର ନାଥ ଜଗନ୍ନାଥ ମହାପ୍ରଭୂଙ୍କର ପବିତ୍ର ରଥଯାତ୍ରା । ଏହି ଯାତ୍ରା ରଥଯାତ୍ରା ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା l ପୁରୀ ତଥା ଦେଶ ବିଦେଶରେ ପ୍ରାୟ ୬୦ରୁ ଅଧିକ ସ୍ଥାନରେ ଏହା ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ ।
ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭. ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ । ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜୟ । ଏହାକୁ ଗୁଣ୍ଡିଚା ପଞ୍ଚକ କୁହଯାଏ । ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରଦାନ କରିଛନ୍ତି। ଋକ୍ ବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ଦେଖାଯାଏ । ଖ୍ରୀଷ୍ଟପୂର୍ବ ଦ୍ଵିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ । ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା। ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହେଇଛି ସେଥି ମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ । କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି । କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ ଚୀନ ପରିବ୍ରାଜକ ଫାଇୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜିସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି । ଏହି ରଥ ଯାତ୍ରା ର ନାମ କରଣ ର ମଧ୍ଯ କିମ୍ବଦନ୍ତୀ ଅଛି l
ଘୋଷଯାତ୍ରା: ବିଶ୍ୱର ମଙ୍ଗଳ ଘୋଷଣା କରୁଥିବାରୁ ବା ନନ୍ଦିଘୋଷ ରଥରେ ବସି ଯାତ୍ରା କରୁଥିବାରୁ ଘୋଷଯାତ୍ରା ।
ଆଡ଼ପମଣ୍ଡପ_ଯାତ୍ରା: ଗୁଣ୍ଡିଚା ମଣ୍ଡପରେ ଥିବା ଆଡ଼ପମଣ୍ଡପରେ ବିଜେ କରୁଥିବାରୁ ଆଡ଼ପମଣ୍ଡପ ଯାତ୍ରା ।
ଜନ୍ମବେଦୀବାଅନ୍ତର୍ବେଦୀ ଯାତ୍ରା: ପ୍ରଭୁଙ୍କର ଜନ୍ମ ବେଦୀ ଆଡ଼ପମଣ୍ଡପଠାରେ ହୋଇଥିବାରୁ ଜନ୍ମବେଦୀ ବା ଅନ୍ତର୍ବେଦୀ ଯାତ୍ରା ।
ବିଭିନ୍ନ ପୁରାଣରେ ମହାପ୍ରଭୁମାନଙ୍କର ଦ୍ଵାଦଶ ଯାତ୍ରା ମଧ୍ୟରୁ ଶ୍ରୀଗୁଣ୍ଡିଚା ଯାତ୍ରା ବା ମହାବେଦୀ ମହୋତ୍ସବ ହିଁ ଶ୍ରେଷ୍ଠ ବୋଲି ସ୍କନ୍ଧ ପୁରାଣର ପୁରୁଷୋତ୍ତମ ମାହାତ୍ମ୍ୟରେ କୁହାଯାଇଛି। ଏପରିକି ଏହିମହାବେଦୀ ମହୋତ୍ସବକୁ ନିର୍ମଳ ମନରେ ଯେଉଁ ଭକ୍ତ ଦର୍ଶନ କରେ ତାର ଶତକୋଟି ଜନ୍ମର ପାପରାଶି କ୍ଷଣକେ ନଷ୍ଟ ହୁଏ। ଶ୍ରୀଜଗନ୍ନାଥଙ୍କର ଉତ୍ସବମୁଖର ଏହି ଗୁଣ୍ଡିଚା ଯାତ୍ରା କେବଳ ଓଡ଼ିଶା କାହିକିଁ ବିଶ୍ଵର ଏକ ସହସ୍ର ଅଶ୍ଵମେଧ ଯଜ୍ଞର ଫଳ ମିଳିଥାଏ ବୋଲି ବିଶ୍ଵାସ କରାଯାଏ । ତେଣୁ ପୁରାଣ ମାନଙ୍କରେ କୁହାଯାଇଛି, ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ ଗୁଣ୍ଡିଚା ମନ୍ଦିରରେ ଏକ ଦିବସ ଦର୍ଶନରେ ସେତିକି ଫଳ ଲାଭ ହୁଏ l
ସ୍କନ୍ଧ ପୁରାଣ ଅନ୍ତର୍ଗତ ଉତ୍କଳ ଖଣ୍ଡର ୩୩ଶ ଅଧ୍ୟାୟ ଠାରୁ ୩୫ଶ ଅଧ୍ୟାୟ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ପାଳିତ ମହାପ୍ରଭୁମାନଙ୍କ ରଥଯାତ୍ରାର ସବିଶେଷ ବିବରଣି ରହିଅଛି।
ସ୍କନ୍ଧ ପୁରାଣ ଅନୁସାରେ – ଜଗନ୍ନାଥଙ୍କ ରଥ ଚକ ସଂଖ୍ୟା ୧୬ (ଷୋହଳ), ବେଦୀ ଉପରୁ ରଥର ଉଚ୍ଚତା ୨୩ (ତେଇଶି) ହାତ, ଚାରୋଟି ତୋରଣ ହେବ । ଗରୁଡଧ୍ଵଜ ରକ୍ତ ଚନ୍ଦନ କାଠରେ ହେବ। ବଳଦେବଙ୍କ ରଥର ୧୪ (ଚଉଦ)ଟି ଚକ, ବେଦୀ ଉପରୁ ରଥର ଉଚ୍ଚତା ୨୨ (ବାଇଶ) ହାତ। ସୁଭଦ୍ରା ଦେବୀଙ୍କ ରଥର ଚକ ସଂଖ୍ୟା ୧୨(ବାର), ବେଦୀ ଉପରୁ ଉଚ୍ଚତା ୨୧ (ଏକୋଇଶ) ହାତ। ଏହି ରଥଯାତ୍ରାକୁ ନବଦିନାତ୍ମିକା ଯାତ୍ରା କୁହାଯାଏ। ଏହାର ତିନୋଟି ଅଙ୍ଗ । ପ୍ରଥମ ଅଙ୍ଗ -ପୂର୍ବ ଯାତ୍ରା, ଦ୍ଵିତୀୟ ଅଙ୍ଗ- ଗୁଣ୍ଡିଚା ମଣ୍ଡପରେ ଅବସ୍ଥାନ ବା ଆଡ଼ପ, ତୃତୀୟ ଅଙ୍ଗ- ବାହୁଡା ଯାତ୍ରା l