ପୁରୀ: ଆଜି ମହାପ୍ରଭୁଙ୍କ ନିଳାଦ୍ରି ବିଜେ। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ସନ୍ଧ୍ୟାଧୂପ ନୀତି ପରେ ଗୋଟି ପହଣ୍ଡିରେ ନୀଳାଦ୍ରି ବିଜେ କରିବେ ତିନିଠାକୁର। ବର୍ଷକୁ ଗୋଟିଏ ଦିନ ନୀଳାଦ୍ରି ବିଜେ ସମୟରେ ମହାପ୍ରଭୁଙ୍କୁ ରସଗୋଲା ଭୋଗ କରାଯାଏ।
ପ୍ରଥମେ କୃଷ୍ଣବଳରାମ, ମଦନ ମୋହନଙ୍କୁ ଦକ୍ଷିଣ ଘରକୁ ବିଜେ କରାଯିବା ପରେ ଶ୍ରୀସୁଦର୍ଶନ, ପରେ ବଡଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଶେଷରେ କାଳିଆ ଠାକୁରଙ୍କୁ ରତ୍ନ ସିଂହାସନକୁ ବିଜେ କରାଯିବ। ଚାରମାଳ ଆସିବା ପରେ ଭେଟ ମଣ୍ଡପରେ ମହାଲକ୍ଷ୍ମୀ ଓ ଜଗନ୍ନାଥଙ୍କ ଭେଟ ନୀତି କରାଯାଇଥାଏ।
ଚତୁର୍ଦ୍ଧାମୂର୍ତ୍ତିଙ୍କ ନିଳାଦ୍ରୀ ବିଜେର ଇତିହାସ
ପରମ୍ପରା ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ଓ ଅଧରପଣାର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହୋଇଥାନ୍ତି। ଶାସ୍ତ୍ରରେ ଉଲ୍ଲେଖ ରହିଛି ଦ୍ଵାଦଶୀ ଦିନ ମହାପ୍ରଭୁ ନିଳାଦ୍ରୀ ବିଜେ କରନ୍ତି, କିନ୍ତୁ ପ୍ରକୃତ ପକ୍ଷେ ଏକାଦଶୀ ଦିନ ସୁନାବେଶ, ଦ୍ଵାଦଶୀରେ ଅଧରପଣା ଓ ତ୍ରୟୋଦଶୀ ତିଥିରେ ନିଳାଦ୍ରୀ ବିଜେ ହୋଇଥାଏ।
ଏହି ପରମ୍ପରା ଦୀର୍ଘ ଅନେକ ବର୍ଷ ଧରି ପାଳିତ ହୋଇଆସୁଛି। ନିଳାଦ୍ରୀ ବିଜେ ପହଣ୍ଡି ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ଦଇତାପତି ନିଯୋଗ ସହ ଏ ସମ୍ବନ୍ଧରେ ଆଲୋଚନା କରାଯାଇ ପହଣ୍ଡି ହୋଇଥାଏ।
ନିଳାଦ୍ରୀ ବିଜେ ଦିନ ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟାଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ଯାଇଥାଏ। ଏହାପରେ ଦର୍ଶନ ପାଇଁ କିଛି ସମୟ ଭକ୍ତମାନଙ୍କୁ ରଥ ଉପରୁ ଛଡା ଯାଇଥାଏ। ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥାଏ।
ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ହସ୍ତରେ ଧରି ଦକ୍ଷିଣି ଘରକୁ ବିଜେ କରାଇଥାନ୍ତି। ଏହାପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରାଯାଏ। ପହଣ୍ଡି ବିଜେ ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଏ ଓ ଅଖଣ୍ଡ ବଇଠା ବସେ।
ଠାକୁରମାନେ ପହଣ୍ଡିରେ ଆସିବାବେଳେ ମନ୍ଦିର ପରିସରସ୍ଥ ଶୁଆଶାରୀ ଦେଉଳଠାରେ ପ୍ରସାଦ ଲାଗି, ଘସା, ବିଡିଆ ମଣୋହି ଓ ବନ୍ଦାପନା ନୀତି ବଢିଥାଏ। ଜଗମୋହନଠାରେ ମଧ୍ୟ ଏହି ନୀତି ପାଳିତ ହୋଇଥାଏ। ଗୁଣ୍ଡିଚା ମନ୍ଦିରଠାରେ ରଥ ଉପରୁ ଠାକୁରମାନେ ଗୁଣ୍ଡିଚା ଘର ରତ୍ନସିଂହାସନକୁ ପହଣ୍ଡି ବିଜେ କରିବା ସମୟରେ ରଥ ଉପରେ ଯେଉଁ ପ୍ରକାର ନୀତି ଅନୁସୃତ ହୋଇଥାଏ, ଠିକ୍ ସେହିପରି ସିଂହଦ୍ଵାରଠାରେ ନିଳାଦ୍ରୀ ବିଜେ ପହଣ୍ଡିରେ ସମନୀତି ପାଳିତ ହୁଏ।
ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରିବା ପରେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିଥାନ୍ତି। ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟ ହୋଇଥାନ୍ତି। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ବଢାଇଥାନ୍ତି। ଏହି ସମୟରେ ପରମ୍ପରା ଅନୁଯାୟୀ ମହାପ୍ରଭୁ ସିଂହଦ୍ଵାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ଵାର ବନ୍ଦ ରହିଥାଏ ଓ କିଛି କ୍ଷଣ ପରେ ଦ୍ଵାର ଖୋଲିଯାଏ।
ପୁଣିଥରେ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ଵାର ନିକଟରେ ବିଜେ କରିବା ସମୟରେ ଉକ୍ତ ଦ୍ଵାର ଭିତର ପଟୁ ବନ୍ଦ କରାଯାଇଥାଏ। ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ଵାରର ଭିତର ପଟେ ଜନୈକ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ଵାରର ଅପରପାର୍ଶ୍ଵରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କ ମଧ୍ୟରେ ଲୋକ ପରମ୍ପରାଗତ ବଚନିକା ପରେ ଜୟ ବିଜୟ ଦ୍ଵାର ଫିଟିଥାଏ। ଏହାପରେ ଗଇଁଠାଳ (ଋକ୍ମିଣୀ ବିବାହ କାଳର) ଫିଟେ ଓ ବନ୍ଦାପନା କରାଯାଏ। ମହାପାତ୍ରଙ୍କଦ୍ଵାରା ରସଗୋଲା ଭୋଗ ଭିତରକୁ ସମାହିତ ହୋଇଥାଏ। ଏହାପରେ ଘସା, ବିଡିଆ ମଣୋହି ସରିଲେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥାନ୍ତି।
ବର୍ଷକୁ ଗୋଟିଏ ଦିନ ଶ୍ରୀମନ୍ଦିର ଭିତରେ ନୀଳାଦ୍ରିବିଜେ ସମୟରେ ଜଗନ୍ନାଥ ମହାପ୍ରଭୁଙ୍କୁ ରସଗୋଲା ଭୋଗ କରାଯାଏ। ଭିତରଚ୍ଛ ମହାପାତ୍ରଙ୍କ ନିଜସ୍ଵ ଗୃହରେ ଅତ୍ୟନ୍ତ ଶୁଦ୍ଧ ପୂତ ଭାବରେ ଏହି ରସଗୋଲା ତିଆରି ହୋଇଥାଏ।ପରମ୍ପରା ଅନୁସାରେ ବିଭିନ୍ନ ମଠ ଏବଂ ସେବକ ନିଯୋଗ ପକ୍ଷରୁ ପ୍ରଭୁଙ୍କୁ ପଂକ୍ତିଭୋଗ କରାଯାଏ।
Comments are closed.