ଆଜି ପବିତ୍ର ଜନ୍ମାଷ୍ଟମୀ, ଧରାଵତରଣ କରିବେ ଭଗବାନ ଶ୍ରୀକୃଷ୍ଣ | News Room Odisha

ଆଜି ପବିତ୍ର ଜନ୍ମାଷ୍ଟମୀ, ଧରାଵତରଣ କରିବେ ଭଗବାନ ଶ୍ରୀକୃଷ୍ଣ

ଭାଦ୍ରବମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ । ହିନ୍ଦୁମାନଙ୍କର ଏହା ଏକ ମୂଖ୍ୟ ପର୍ବ । ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ ଦ୍ୱାପର ଯୁଗର ଶେଷ ଭାଗରେ ଧରାଧାମରେ ଅବତୀର୍ଣ୍ଣ ହୋଇଥିଲେ । ତାଙ୍କର ଲୀଳା ଅବଧୀ ଥିଲା ୧୨୫ ବର୍ଷ ୭ ମାସ । ଯେଉଁ ଦିନ କୃଷ୍ଣଙ୍କର ପରଲୋକ ହେଲା ସେଦିନଠାରୁ କଳି ଯୁଗ ଆରମ୍ଭ ହୋଇଛି ଏବଂ ବର୍ତ୍ତମାନ କଳିଭୋଗବ୍ଦ ୫୧୧୩ ଚାଲିଛି । ତେଣୁ ଆଜକୁ ୫୨୩୮ ବର୍ଷ ପୂର୍ବେ ଲୀଳା ପୁରୁଷୋତ୍ତମ ଏହି ଧରାଧାମରେ ଅବତରଣ କରିଥିଲେ।ଗବେଷକଙ୍କ ମତରେ ଖ୍ରୀଷ୍ଟପୂର୍ବ ୩୨୨୭ ପୂର୍ଣ୍ଣମାନ୍ତ ଭାଦ୍ର କୃଷ୍ଣ ଅଷ୍ଟମୀ ତିଥିରେ ତାଙ୍କର ଜନ୍ମ ହେଇଥିଲା ।

ମାନବ ଜାତିର ଉନ୍ନତିକଳ୍ପେ ଭଗବାନ ଶ୍ରୀକୃଷ୍ଣ ଭିନ୍ନ ଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହେଇ ଲୀଳା କରିଥିଲେ । ମହାଭାରତ ଯୁଦ୍ଧକୁ ଏଡେଇବା ପାଇଁ ଶାନ୍ତିର ବାର୍ତ୍ତାନେଇ ଦୁର୍ଯ୍ୟୋଧନଙ୍କ ନିକଟକୁ ଗମନ କରିଥିଲେ।ଏଠାରେ ପଂରବ୍ରହ୍ମ ଶ୍ରୀକୃଷ୍ଣ ଶାନ୍ତିଦୂତର ଭୂମିକା ନିଭାଇ ଥିଲେ । ମହାଭାରତ ଯୁଦ୍ଧକ୍ଷେତ୍ରରେ ଅର୍ଜୁନଙ୍କ ରଥର ସାରଥୀହେଇ ରଥକୁ ସୁଚାରୁ ରୂପେ ଚାଳନା କରିଥିଲେ । ଯୁଦ୍ଧର ପ୍ରାରମ୍ଭରେ ନିଜର ଜ୍ଞାତି କୁଟୁମ୍ବମାନଙ୍କୁ ଅବଲୋକନ କରି ଅର୍ଜୁନଙ୍କ ମନରେ ବିଷାଦ ଆସିଥିଲା ଓ ଯୁଦ୍ଧ ନକରିବା ପାଇଁ ଶ୍ରୀକୃଷ୍ଣଙ୍କୁ ମନାକରିଦେଇଥିଲେ । ଏଠାରେ ଭଗବାନ ଗୁରୁ ରୂପରେ ଅବତୀର୍ଣ୍ଣ ହେଇ ଅର୍ଜୁନଙ୍କୁ ଗୀତାଜ୍ଞାନ ପ୍ରଦାନ କରି ଧର୍ମସ୍ଥାପନ ପାଇଁ ଯୁଦ୍ଧ କରିବାଲାଗି ତାଙ୍କୁ ମନେଇବାରେ ସକ୍ଷମ ହେଇଥିଲେ।କୂଟନୀତି ପ୍ରୟୋଗ କରି ପାଣ୍ଡବମାନଙ୍କୁ ଯୁଦ୍ଧରେ ଜିତାଇଥିଲେ । ଏଠାରେ ତାଙ୍କୁ ବିଚକ୍ଷଣ କୂଟନୀତିଜ୍ଞ ରୂପରେ ମାନ୍ୟତା ଦିଆଯାଏ ।

ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ । ଏହା ଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର । କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ । ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ । ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ । ପୃଥିବୀକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଛନ୍ତି । ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ । ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା ବିଜୁଳୀ କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଲେ । ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରତିରେ ବାହାରିଲେ । ଜଗନ୍ନାଥ ଦାସଙ୍କ ଭାଗବତରେ ବର୍ଣ୍ଣିତ କଥାମୃତ ଅନୁଯାୟୀ ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହେଇଗଲା, ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିଗଲା ଏବଂ ବନ୍ଦିଶାଳାର ଦ୍ୱାର ମଧ୍ୟ ଆପେଆପେ ଖୋଲିଗଲା।ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହେଇ ଗୋପପୁର ଗଲେ । ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କି ଚାଲିଲେ।ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦଘରେ ଛାଡିଥିଲେ ବସୁଦେବ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ ।

ଏହି ପବିତ୍ର ଉତ୍ସବ ଭାରତର ବିଭିନ୍ନ ପ୍ରାନ୍ତରେ ଭିନ୍ନ ଭିନ୍ନ ନାମରେ ପାଳିତ ହେବା ସହିତ ଭାରତ ବାହାରେ ବିଦେଶରେ ମଧ୍ୟ ଅତ୍ୟନ୍ତ ନିଷ୍ଠାର ସହ ପାଳନ କରାଯାଉଛି। ବିଶେଷ କରି ଅନ୍ୟ ରାଷ୍ଟ୍ରରେ ଏହାକୁ ଜାତୀୟ ଛୁଟି ଦିବସ ରୂପେ ମଧ୍ୟ ଘୋଷଣା କରାଯାଇଛି।