ବରଗଡ ଜିଲ୍ଲା ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲାବାସୀଙ୍କୁ ୨୯୮ କୋଟିର ପ୍ରକଳ୍ପ ଭେଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ସେହିପରି ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଏଥିରେ ରହିଛି – ୨୦୯୦ କୋଟି ଟଙ୍କାର ଗୁରୁତ୍ବପୂର୍ଣ୍ଣ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ । ଏହି ପ୍ରକଳ୍ପ ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ ଏବଂ ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବରଗଡ ହେଉଛି ମା ଲକ୍ଷ୍ମୀଙ୍କ ପବିତ୍ର ଭୂମି । ଓଡିଶାର ଭାତ ହାଣ୍ଡି । ବରଗଡର ବୁଣାକାର ମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି କହିଲେ ଯେ ଚାଷୀଙ୍କ ପରି ବରଗଡର ବୁଣାକାର ମଧ୍ୟ ସାରା ବିଶ୍ବକୁ ସମ୍ବଲପୁରୀ ଶାଢୀ ଉପହାର ଦେଇଛନ୍ତି । ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ ବୋଲି ସେ କହିଥିଲେ ।

ବରଗଡ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଉପକାର ପାଇବେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ବୋଲି ସେ କହିଥିଲେ ।

Comments are closed.